ଉପଦେଶକ 11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTଜ୍ଞାନୀର କର୍ତ୍ତବ୍ୟ 1 ତୁମ୍ଭେ ଜଳ ଉପରେ ଆପଣା ଭକ୍ଷ୍ୟ ପକାଅ, କାରଣ ଅନେକ ଦିନ ଉତ୍ତାରେ ତାହା ପାଇବ। 2 ସାତଜଣକୁ, ବରଞ୍ଚ ଆଠ ଜଣକୁ ଅଂଶ ବିତରଣ କର; କାରଣ ପୃଥିବୀରେ କି ବିପଦ ଘଟିବ, ତାହା ତୁମ୍ଭେ ଜାଣ ନାହିଁ। 3 ମେଘମାଳ ବୃଷ୍ଟିରେ ପୂର୍ଣ୍ଣ ହେଲେ ପୃଥିବୀରେ ତାହା ଢାଳି ଦିଅନ୍ତି; ପୁଣି, ବୃକ୍ଷ ଯଦି ଦକ୍ଷିଣ କି ଉତ୍ତର ଦିଗରେ ପଡ଼େ, ତେବେ ଯେଉଁ ସ୍ଥାନରେ ପଡ଼େ, ସେହି ସ୍ଥାନରେ ରହିବ। 4 ଯେଉଁ ଲୋକ ପବନକୁ ଅନାଏ, ସେ ବୁଣିବ ନାହିଁ ଓ ଯେଉଁ ଲୋକ ମେଘକୁ ଅନାଏ, ସେ କାଟିବ ନାହିଁ। 5 ତୁମ୍ଭେ ଯେପରି ବାୟୁର ଗତି, ଅବା ଗର୍ଭବତୀର ଉଦରରେ ଅସ୍ଥି କିପରି ବଢ଼େ, ତାହା ଜାଣ ନାହିଁ, ସେପରି ସର୍ବସାଧକ ପରମେଶ୍ୱରଙ୍କ କର୍ମ ହିଁ ଜାଣ ନାହିଁ। 6 ତୁମ୍ଭେ ପ୍ରଭାତରେ ବୀଜ ବୁଣ ଓ ସନ୍ଧ୍ୟା ବେଳେ ଆପଣା ହସ୍ତ ବନ୍ଦ କର ନାହିଁ; କାରଣ ଏହା ଅବା ତାହା ସିଦ୍ଧ ହେବ, ଅବା ଉଭୟ ସମାନ ଉତ୍ତମ ହେବ, ଏହା ତୁମ୍ଭେ ଜାଣ ନାହିଁ। 7 ପ୍ରକୃତରେ ଆଲୁଅ ସୁଖଦାୟକ, ପୁଣି ଚକ୍ଷୁ ପକ୍ଷରେ ସୂର୍ଯ୍ୟ ଦର୍ଶନ ତୁଷ୍ଟିକର। 8 ହଁ, ଯଦି ମନୁଷ୍ୟ ଅନେକ ବର୍ଷ ବଞ୍ଚେ, ତେବେ ସେହି ସବୁରେ ସେ ଆନନ୍ଦ କରୁ; ମାତ୍ର ଅନ୍ଧକାରର ଦିନସବୁ ସେ ମନେ ରଖୁ, କାରଣ ସେହି ଦିନସବୁ ଅନେକ ହେବ। ଯାହା ଯାହା ଘଟେ, ସବୁ ଅସାର। ଯୁବ ସଂପ୍ରଦାୟକୁ ପରାମର୍ଶ 9 ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ୱର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ। 10 ଏହେତୁ ଆପଣା ହୃଦୟରୁ ବିରକ୍ତି ଦୂର କର ଓ ଆପଣା ଶରୀରରୁ ଦୁଃଖ ଦୂର କର; କାରଣ ଯୌବନ ଓ ଜୀବନର ଉତ୍ତମାଂଶ ଅସାର। |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.