ଆୟୁବ 38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTଆୟୁବଙ୍କୁ ପରମେଶ୍ୱରଙ୍କ ଉତ୍ତର 1 ଏଥିଉତ୍ତାରେ ସଦାପ୍ରଭୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଆୟୁବକୁ ଉତ୍ତର ଦେଇ କହିଲେ, 2 “ଏ କିଏ ଯେ, ଜ୍ଞାନରହିତ କଥା ଦ୍ୱାରା ମନ୍ତ୍ରଣାକୁ ଅନ୍ଧକାରମୟ କରୁଅଛି? 3 ଏବେ ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ, କାରଣ ଆମ୍ଭେ ତୁମ୍ଭକୁ ପ୍ରଶ୍ନ କରିବା ଓ ତୁମ୍ଭେ ଆମ୍ଭକୁ ବୁଝାଇ ଦିଅ। 4 ଯେତେବେଳେ ଆମ୍ଭେ ପୃଥିବୀର ଭିତ୍ତିମୂଳ ସ୍ଥାପନ କଲୁ, ସେତେବେଳେ ତୁମ୍ଭେ କେଉଁଠାରେ ଥିଲ? ବୁଦ୍ଧି ଥିଲେ, ବୁଝାଇ ଦିଅ। 5 ତୁମ୍ଭେ କି ଜାଣ, କିଏ ତହିଁର ପରିମାଣ ନିରୂପଣ କଲା? ଅବା କିଏ ତହିଁ ଉପରେ ପରିମାପକ ରଜ୍ଜୁ ପ୍ରସାରିଲା? 6 କାହା ଉପରେ ତହିଁର ଭିତ୍ତିମୂଳ ଦୃଢ଼ୀକୃତ ହେଲା? ଅବା ପ୍ରଭାତୀୟ ନକ୍ଷତ୍ରଗଣ ଏକ ସଙ୍ଗେ ଗାନ କରିବା ବେଳେ 7 ଓ ପରମେଶ୍ୱରଙ୍କ ଦୂତଗଣ ଆନନ୍ଦରେ ଜୟଧ୍ୱନି କରିବା ବେଳେ କିଏ ତହିଁର କୋଣ-ପ୍ରସ୍ତର ବସାଇଲା? 8 ଅବା ଯେତେବେଳେ ଗର୍ଭରୁ ନିର୍ଗତ ହେବା ତୁଲ୍ୟ ସମୁଦ୍ର ବାହାରିଲା, ଯେତେବେଳେ ଆମ୍ଭେ ମେଘକୁ ତହିଁର ବସ୍ତ୍ର ସ୍ୱରୂପ 9 ଓ ନିବିଡ଼ ଅନ୍ଧକାରକୁ ତହିଁର ଗୁଡ଼ାଇବା ବସ୍ତ୍ର ସ୍ୱରୂପ କଲୁ, 10 ପୁଣି ତହିଁ ନିମନ୍ତେ ଆମ୍ଭେ ଆପଣା ବିଧି ନିରୂପଣ କରି ଅର୍ଗଳ ଓ କବାଟ ସ୍ଥାପନ କଲୁ, 11 ‘ତୁମ୍ଭେ ଏପର୍ଯ୍ୟନ୍ତ ଆସିବ, ମାତ୍ର ଆଉ ବଢ଼ିବ ନାହିଁ ଓ ଏହିଠାରେ ତୁମ୍ଭର ଗର୍ବିତ ତରଙ୍ଗ ନିବାରିତ ହେବ ବୋଲି କହିଲୁ; ସେତେବେଳେ କିଏ କବାଟ ଦେଇ ସମୁଦ୍ରକୁ ରୁଦ୍ଧ କଲା?’ 12 ଯେପରି ପ୍ରଭାତ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅବଲମ୍ବନ କରିବ ଓ ଦୁଷ୍ଟମାନେ ପୃଥିବୀରୁ ଝଡ଼ି ପଡ଼ିବେ; 13 ଏଥିପାଇଁ ତୁମ୍ଭେ କି ଆପଣା ଦିନର ଆରମ୍ଭଠାରୁ ପ୍ରଭାତକୁ ଆଜ୍ଞା ଦେଉଅଛ ଓ ଅରୁଣକୁ ତହିଁର ଉଦୟ ସ୍ଥାନ ଜଣାଇଅଛ? 14 ମୋହରାଙ୍କିତ ମୃତ୍ତିକା ତୁଲ୍ୟ ତାହା ରୂପାନ୍ତରିତ ହୁଏ; ଓ ସକଳ ପଦାର୍ଥ ବସ୍ତ୍ର ତୁଲ୍ୟ ଦେଖାଯାଏ; 15 ଦୁଷ୍ଟମାନଙ୍କଠାରୁ ସେମାନଙ୍କ ଦୀପ୍ତି ନିବାରିତ ହୁଏ ଓ ଉଚ୍ଚ ବାହୁ ଭଗ୍ନ ହୁଏ। 16 ତୁମ୍ଭେ କି ସମୁଦ୍ରର ଝର ପର୍ଯ୍ୟନ୍ତ ପ୍ରବେଶ କରିଅଛ? ଅବା ତୁମ୍ଭେ କି ବାରିଧିର ଗୁପ୍ତସ୍ଥଳୀମାନଙ୍କରେ ଗତାୟାତ କରିଅଛ? 17 ତୁମ୍ଭ ନିକଟରେ କି ମୃତ୍ୟୁର ଦ୍ୱାରସବୁ ପ୍ରକାଶିତ ହୋଇଅଛି? ଅବା ତୁମ୍ଭେ କି ମୃତ୍ୟୁୁଚ୍ଛାୟାର ଦ୍ୱାରସବୁ ଦେଖିଅଛ? 18 ତୁମ୍ଭେ କି ପୃଥିବୀର ବିସ୍ତୃତି ବୁଝିଅଛ? ଏସବୁ ଯଦି ଜାଣ, ପ୍ରକାଶ କର। 19 ଦୀପ୍ତିର ବାସସ୍ଥାନକୁ ପଥ କାହିଁ? ଓ ଅନ୍ଧକାରର ସ୍ଥାନ କେଉଁଠାରେ? 20 ତୁମ୍ଭେ କି ତହିଁର ସୀମାକୁ ତାହାକୁ ନେଇପାର? ଓ ତହିଁର ଗୃହ-ପଥ କି ଚିହ୍ନିପାର? 21 ସନ୍ଦେହ ନାହିଁ, ତୁମ୍ଭେ ଜାଣ, କାରଣ ସେତେବେଳେ ତୁମ୍ଭେ ଜନ୍ମ ହୋଇଥିଲ ଓ ତୁମ୍ଭ ଦିନର ସଂଖ୍ୟା ବହୁତ! 22 ତୁମ୍ଭେ ହିମ ଭଣ୍ଡାରରେ ପ୍ରବେଶ କରିଅଛ? ଅବା ଆମ୍ଭେ ସଙ୍କଟ କାଳ ଓ ସଂଗ୍ରାମ ଓ ଯୁଦ୍ଧ ଦିନ ନିମନ୍ତେ ଯେଉଁ ଶିଳାବୃଷ୍ଟି ସଞ୍ଚୟ କରିଅଛୁ, 23 ତହିଁର ଭଣ୍ଡାର କି ତୁମ୍ଭେ ଦେଖିଅଛ? 24 କେଉଁ ପଥରେ ଦୀପ୍ତି ବିଭକ୍ତ ହୁଏ, ଅବା ପୂର୍ବୀୟ ବାୟୁ ପୃଥିବୀରେ ବ୍ୟାପ୍ତ ହୁଏ? 25 ଜଳପ୍ଳାବନ ନିମନ୍ତେ ପ୍ରଣାଳୀ ଓ ମେଘଗର୍ଜ୍ଜନର ବିଜୁଳି ନିମନ୍ତେ ପଥ କାଟି 26 କିଏ ପୃଥିବୀର ନିର୍ଜନ ସ୍ଥାନରେ ଓ ନରଶୂନ୍ୟ ପ୍ରାନ୍ତରରେ ବର୍ଷାଇବାକୁ, 27 ମରୁଭୂମି ଓ ଶୁଷ୍କସ୍ଥାନ ତୃପ୍ତ କରିବାକୁ ଓ କୋମଳ ତୃଣ ଅଙ୍କୁରିତ ହେବାକୁ ଦିଅନ୍ତି? 28 ବୃଷ୍ଟିର କି ପିତା ଅଛି? ଅବା କିଏ ଶିଶିର ବିନ୍ଦୁସବୁ ଜାତ କରିଅଛି? 29 କାହାର ଗର୍ଭରୁ ହିମାନୀ ନିର୍ଗତ ହୋଇଅଛି? ଓ କିଏ ଆକାଶର ତୁଷାରକୁ ଜନ୍ମ ଦେଇଅଛି? 30 ଜଳରାଶି ପ୍ରସ୍ତରାଚ୍ଛାଦିତ ହେଲା ପରି ହୁଏ ଓ ବାରିଧିର ଉପରଭାଗ ଜମାଟ ହୁଏ। 31 ତୁମ୍ଭେ କି କୃତ୍ତିକା-ନକ୍ଷତ୍ରପୁଞ୍ଜ ବାନ୍ଧିପାର? ଓ ମୃଗଶୀର୍ଷର ବନ୍ଧନ ଫିଟାଇପାର? 32 ତୁମ୍ଭେ କି ରାଶିଗଣକୁ ସ୍ୱ ସ୍ୱ ଋତୁରେ ଚଳାଇପାର? ଅବା ତୁମ୍ଭେ କି ସ୍ୱାତୀ ଓ ତହିଁର ସହଚରଗଣକୁ ପଥ ଦେଖାଇପାର? 33 ତୁମ୍ଭେ କି ଆକାଶମଣ୍ଡଳର ବିଧାନସବୁ ଜାଣ? ତୁମ୍ଭେ କି ପୃଥିବୀରେ ତହିଁର କର୍ତ୍ତୃତ୍ୱ ସ୍ଥାପନ କରିପାର? 34 ଯେପରି ଅପାର ଜଳ ତୁମ୍ଭକୁ ଆଚ୍ଛନ୍ନ କରି ପାରିବ, ଏଥିପାଇଁ ତୁମ୍ଭେ କି ମେଘ ପର୍ଯ୍ୟନ୍ତ ଆପଣା ରବ ଉଠାଇପାର? 35 ବିଜୁଳି ଯେପରି ଯିବେ ଓ ତୁମ୍ଭକୁ କହିବେ, ‘ଆମ୍ଭେମାନେ ଏଠାରେ ଅଛୁ,’ ଏଥିପାଇଁ କି ତୁମ୍ଭେ ସେମାନଙ୍କୁ ପଠାଇପାର? 36 କିଏ ଅନ୍ତରେ ଜ୍ଞାନ ସ୍ଥାପନ କରିଅଛି? ଅବା ମନକୁ କିଏ ବୁଦ୍ଧି ଦେଇଅଛି? 37 କିଏ ଜ୍ଞାନ ଦ୍ୱାରା ମେଘମାଳ ଗଣନା କରିପାରେ? 38 ଧୂଳି ରାଶୀକୃତ ହୋଇ ଟେଳା ବାନ୍ଧିବା ବେଳେ କିଏ ଆକାଶସ୍ଥ କୁମ୍ପାସବୁ ଢାଳି ଦେଇ ପାରେ? 39 ତୁମ୍ଭେ କି ସିଂହୀ ପାଇଁ ଶିକାର ଖୋଜିବ? ଅବା ଯୁବା ସିଂହମାନେ ଆପଣା ଆପଣା ଗୁହାରେ ଶୟନ କଲା ବେଳେ ଓ ଛକି ବସିବା ପାଇଁ ଗୁପ୍ତ ସ୍ଥାନରେ ଥିବା ବେଳେ 40 ତୁମ୍ଭେ କି ସେମାନଙ୍କ କ୍ଷୁଧା ନିବାରଣ କରିପାର? 41 ଡାମରା କାଉର ଛୁଆମାନେ ପରମେଶ୍ୱରଙ୍କ ନିକଟରେ ରାବ କରି ଖାଦ୍ୟ ଅଭାବରେ ଭ୍ରମଣ କଲା ବେଳେ କିଏ ତାହାକୁ ଆହାର ଯୋଗାଇ ଦିଏ? |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.