ଗୀତସଂହିତା 112 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTସଜ୍ଜନର ଆନନ୍ଦ 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ, ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ। 2 ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ ସରଳ ଲୋକର ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ। 3 ତାହାର ଗୃହରେ ଧନସମ୍ପତ୍ତି ଥାଏ ଓ ତାହାର ଧର୍ମ ସଦାକାଳସ୍ଥାୟୀ 4 ସରଳ ଲୋକଙ୍କ ପ୍ରତି ଅନ୍ଧକାରରେ ଦୀପ୍ତି ଉଦିତ ହୁଏ; ସେ କୃପାମୟ ଓ ସ୍ନେହଶୀଳ ଓ ଧାର୍ମିକ। 5 ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ। 6 କାରଣ ସେ କଦାପି ବିଚଳିତ ନୋହିବ; ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ। 7 ସେ କୁସମ୍ବାଦ ଶୁଣି ଭୀତ ହେବ ନାହିଁ। ତାହାର ଚିତ୍ତ ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସ୍ଥିର ଥାଏ। 8 ସେ ଆପଣା ବିପକ୍ଷଗଣ ଉପରେ ନିଜ ବାଞ୍ଛାର ସିଦ୍ଧି ଦେଖିବା ପର୍ଯ୍ୟନ୍ତ, ତାହାର ଚିତ୍ତ ସୁସ୍ଥିର ଥାଏ, ସେ ଭୀତ ହେବ ନାହିଁ। 9 ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ। 10 ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ; ସେ ଆପଣା ଦନ୍ତ ଘର୍ଷଣ କରିବ ଓ ତରଳି ଯିବ; ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ। |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.