ଗୀତସଂହିତା 126 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTମୁକ୍ତିର ସଙ୍ଗୀତ ଆରୋହଣ ଗୀତ। 1 ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ। 2 ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ୱା ଗାୟନରେ ପରିପୂର୍ଣ୍ଣ ହେଲା; ସେତେବେଳେ ଗୋଷ୍ଠୀବର୍ଗ ମଧ୍ୟରେ ଲୋକମାନେ କହିଲେ, “ସଦାପ୍ରଭୁ ଏମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି।” 3 ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି; ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ। 4 ହେ ସଦାପ୍ରଭୋ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ୱାବସ୍ଥା ପରିବର୍ତ୍ତନ କର। 5 ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ। 6 ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ। |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.