Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT


ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରିବି
ପ୍ରଧାନ ବାଦ୍ୟକର ନିମନ୍ତେ, ମୂତ୍‍-ଲବ୍ବନ୍‍ ସ୍ୱରରେ ଦାଉଦଙ୍କର ଗୀତ।

1 ମୁଁ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୁଁ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରିବି।

2 ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।

3 ମୋହର ଶତ୍ରୁମାନେ ଫେରିଯିବା ବେଳେ ତୁମ୍ଭ ସାକ୍ଷାତରେ ଝୁଣ୍ଟି ପଡ଼ି ବିନଷ୍ଟ ହୁଅନ୍ତି।

4 କାରଣ ତୁମ୍ଭେ ମୋହର ବିଚାର ଓ ବିବାଦ ନିଷ୍ପନ୍ନ କରିଅଛ; ତୁମ୍ଭେ ସିଂହାସନରେ ବସି ଧର୍ମବିଚାର କରିଅଛ।

5 ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ ତୁମ୍ଭ ଦୁଷ୍ଟମାନଙ୍କୁ ସଂହାର କରିଅଛ, ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ।

6 ଶତ୍ରୁମାନେ ଅଦୃଶ୍ୟ ହୋଇଅଛନ୍ତି, ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି।

7 ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ; ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି।

8 ପୁଣି, ସେ ଧର୍ମରେ ଜଗତକୁ ବିଚାର କରିବେ, ସେ ନ୍ୟାୟରେ ଗୋଷ୍ଟୀୟମାନଙ୍କର ବିଚାର ସାଧନ କରିବେ।

9 ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ। ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ;

10 ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; କାରଣ ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ।

11 ସିୟୋନ ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର।

12 କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ଭୁଲନ୍ତି ନାହିଁ।

13 ହେ ସଦାପ୍ରଭୋ, ହେ ମୃତ୍ୟୁୁଦ୍ୱାରରୁ ମୋହର ଉଠାଇବା କର୍ତ୍ତା, ମୋʼ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର।

14 ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। ସିୟୋନ କନ୍ୟାର ନଗର-ଦ୍ୱାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି।

15 ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି।

16 ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। [ହିଗାୟୋନ୍‍, ସେଲା]

17 ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେମାନେ ସମସ୍ତେ ପାତାଳକୁ ଚାଲିଯିବେ।

18 କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବା ଦରିଦ୍ରର ପ୍ରତ୍ୟାଶା ସର୍ବଦା ବିନଷ୍ଟ ନୋହିବ।

19 ହେ ସଦାପ୍ରଭୋ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ।

20 ହେ ସଦାପ୍ରଭୋ, ସେମାନଙ୍କୁ ଭୟଗ୍ରସ୍ତ କର; ଗୋଷ୍ଠୀୟମାନେ ଆପଣାମାନଙ୍କୁ ମନୁଷ୍ୟ ମାତ୍ର ବୋଲି ଜାଣନ୍ତୁ। [ସେଲା]

ORY-IRV

Creative Commons License

Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.

Bridge Connectivity Solutions Pvt. Ltd.
Lean sinn:



Sanasan