Biblia Todo Logo
Bìoball air-loidhne

- Sanasan -

ପ୍ରକାଶିତ 4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT


ସ୍ୱର୍ଗରେ ଉପାସନା

1 ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ଦ୍ୱାର ଉନ୍ମୁକ୍ତ; ପୁଣି, ତୂରୀଶବ୍ଦ ସଦୃଶ ମୋ ସହିତ କହୁଥିବା ଯେଉଁ ସ୍ୱର ମୁଁ ପୂର୍ବରେ ଶୁଣିଥିଲି; ତାହା କହିଲା, “ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହିସବୁ ଆମ୍ଭେ ତୁମ୍ଭକୁ ଦେଖାଇବା।”

2 ସେହିକ୍ଷଣି ମୁଁ ଆତ୍ମାରେ ଆବିଷ୍ଟ ହେଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ସିଂହାସନ ସ୍ଥାପିତ ହୋଇଅଛି, ପୁଣି, ସିଂହାସନ ଉପରେ ଜଣେ ବସିଅଛନ୍ତି;

3 ସେହି ବ୍ୟକ୍ତିଙ୍କ ରୂପ ହୀରା ଓ ମାଣିକ୍ୟ ସଦୃଶ, ଆଉ ସିଂହାସନ ଚତୁର୍ଦ୍ଦିଗରେ ଗୋଟିଏ ମେଘଧନୁ, ତାହା ମର୍କତ ମଣି ତୁଲ୍ୟ।

4 ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ।

5 ସିଂହାସନ ମଧ୍ୟରୁ ବିଜୁଳି, ବିଭିନ୍ନ ସ୍ୱର ଓ ମେଘଗର୍ଜ୍ଜନ ନିର୍ଗତ ହେଉଅଛି, ଆଉ ସିଂହାସନ ସମ୍ମୁଖରେ ଅଗ୍ନିମୟ ସପ୍ତ ପ୍ରଦୀପ ଜଳୁଅଛି, ଏହି ସପ୍ତ ପ୍ରଦୀପ ଈଶ୍ବରଙ୍କ ସପ୍ତ ଆତ୍ମା।

6 ସିଂହାସନ ସମ୍ମୁଖରେ ସ୍ଫଟିକ ପରି ସ୍ୱଚ୍ଛ ଏକ ସମୁଦ୍ର; ସିଂହାସନ ଚତୁର୍ଦ୍ଦିଗର ମଧ୍ୟସ୍ଥଳରେ ଚାରି ପ୍ରାଣୀ, ସେମାନଙ୍କର ଆଗ ଓ ପଛ ଚକ୍ଷୁରେ ପରିପୂର୍ଣ୍ଣ।

7 ପ୍ରଥମ ପ୍ରାଣୀ ସିଂହ ସଦୃଶ, ଦ୍ୱିତୀୟ ପ୍ରାଣୀ ଗୋରୁ ସଦୃଶ, ତୃତୀୟ ପ୍ରାଣୀର ମୁଖ ମନୁଷ୍ୟ-ମୁଖ ସଦୃଶ, ପୁଣି, ଚତୁର୍ଥ ପ୍ରାଣୀ ଉଡ଼ନ୍ତା ଉତ୍କ୍ରୋଷପକ୍ଷୀ ସଦୃଶ।

8 ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ। ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, “‘ଯେ ସର୍ବଶକ୍ତିମାନ, ଯେ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ,’ ସେହି ପ୍ରଭୁ ଈଶ୍ବର ପବିତ୍ର, ପବିତ୍ର, ପବିତ୍ର।”

9 ପ୍ରାଣୀମାନେ ଯେତେବେଳେ ସେହି ସିଂହାସନ ଉପବିଷ୍ଟ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ଗୌରବ, ସମ୍ଭ୍ରମ ଓ ଧନ୍ୟବାଦ ଦିଅନ୍ତି,

10 ସେତେବେଳେ ଚବିଶ ପ୍ରାଚୀନ ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ଓ ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି,

11 “ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ବର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ଯୋଗ୍ୟ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ, ସେହିସବୁ ସତ୍ତା ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି।”

ORY-IRV

Creative Commons License

Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.

Bridge Connectivity Solutions Pvt. Ltd.
Lean sinn:



Sanasan