Biblia Todo Logo
Bìoball air-loidhne

- Sanasan -

ଯିଶାଇୟ 17 - ପବିତ୍ର ବାଇବଲ (Re-edited) - (BSI)


ଦାମାସ୍କସ୍ ପ୍ରତି ଭାବବାଣୀ

1 ଦାମାସ୍କସ୍ (ଦମ୍ମେଶକ) ବିଷୟକ ଭାରୋକ୍ତି। ଦେଖ, ଦାମାସ୍କସ୍ (ଦମ୍ମେଶକ) ଆଉ ନଗର ନ ହୋଇ ଦୂରୀକୃତ ହୋଇଅଛି, ତାହା କାନ୍ଥଡ଼ାର ଢ଼ିପି ହେବ।

2 ଅରୋୟରର ନଗରସବୁ ପରିତ୍ୟକ୍ତ ହୋଇଅଛି; ସେସବୁ ପଶୁପଲର ପାଇଁ ହେବ, ସେମାନେ ସେଠାରେ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।

3 ଆହୁରି, ଇଫ୍ରୟିମରୁ ଦୁର୍ଗ ଓ ଦାମାସ୍କସ୍ରୁ ରାଜ୍ୟ ଓ ଅରାମର ଅବଶିଷ୍ଟାଂଶ ଲୁପ୍ତ ହେବ; ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେସବୁ ଇସ୍ରାଏଲ ସନ୍ତାନଗଣର ଗୌରବ ତୁଲ୍ୟ ହେବ।

4 ଆଉ, ସେଦିନରେ ଯାକୁବର ଗୌରବ ପାତଳ କରାଯିବ ଓ ତାହାର ମାଂସର ସ୍ଥୂଳତା କ୍ଷୀଣ ହେବ;

5 ଆଉ, ଯେପରି ଶସ୍ୟ କାଟିବା ଲୋକ କ୍ଷେତ୍ରସ୍ଥ ଶସ୍ୟ ସଂଗ୍ରହ କରିବା ବେଳେ ଓ ତାହାର ହସ୍ତ ଶିଷା କାଟିବା ବେଳେ, କିଅବା ଯେପରି କେହି ରଫାୟିମ ତଳଭୂମିରେ ପତିତ ଶିଷା ସାଉଣ୍ଟିବା ବେଳେ ହୁଏ, ସେପରି ହେବ।

6 ତଥାପି ଜୀତବୃକ୍ଷର ଫଳ ଝାଡ଼ି ନେଲା ଉତ୍ତାରେ ଯେପରି ତାହାର ଉଚ୍ଚତମ ଶାଖାରେ ଦୁଇ ତିନି ଗୋଟା ଫଳ ଓ ଫଳବାନ ବୃକ୍ଷର ବାହାରସ୍ଥ ଶାଖାରେ ଚାରି ପାଞ୍ଚ ଗୋଟା ଫଳ ଥାଏ, ସେପରି ତାହାର କିଛି ଅବଶିଷ୍ଟ ରହିବ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର କହନ୍ତି।

7 ସେଦିନରେ ମନୁଷ୍ୟ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତି ଅନାଇବ ଓ ତାହାର ଚକ୍ଷୁ ଇସ୍ରାଏଲର ଧର୍ମସ୍ଵରୂପଙ୍କ ପ୍ରତି ଦୃଷ୍ଟି ରଖିବ।

8 ପୁଣି, ସେ ଆପଣା ହସ୍ତକୃତ ଯଜ୍ଞବେଦିସମୂହର ପ୍ରତି ଅନାଇବ ନାହିଁ, କିଅବା ଆପଣା ଅଙ୍ଗୁଳିକୃତ ଆଶେରା ମୂର୍ତ୍ତି ଅବା ସୂର୍ଯ୍ୟ ପ୍ରତିମାସକଳର ପ୍ରତି ଦୃଷ୍ଟି ରଖିବ ନାହିଁ।

9 ସେଦିନ ତାହାର ଦୃଢ଼ ନଗରସବୁ ଇସ୍ରାଏଲ ସନ୍ତାନ-ଗଣର ଭୟରେ ବନସ୍ଥ ଓ ପର୍ବତର ଉପରିସ୍ଥ ପରିତ୍ୟକ୍ତ ସ୍ଥାନ ତୁଲ୍ୟ ହେବ ଓ ଦେଶ ଉଚ୍ଛିନ୍ନ ହେବ।

10 କାରଣ ତୁମ୍ଭେ ଆପଣା ପରିତ୍ରାଣର ପରମେଶ୍ଵରଙ୍କୁ ପାସୋରିଅଛ ଓ ଆପଣା ଶକ୍ତି ସ୍ଵରୂପ ଶୈଳ ବିଷୟରେ ମନୋଯୋଗୀ ହୋଇ ନାହଁ; ଏହେତୁ ତୁମ୍ଭେ ସୁନ୍ଦର ସୁନ୍ଦର ଚାରା ରୋପଣ କରୁଅଛ ଓ ବିଦେଶୀୟ କଲମ ସଙ୍ଗେ ତାହା ବସାଉଅଛ;

11 ତୁମ୍ଭେ ରୋପଣ କରିବା ଦିନ ତହିଁର ଚାରିଆଡ଼େ ବାଡ଼ ଦେଉଅଛ ଓ ପ୍ରାତଃକାଳରେ ତୁମ୍ଭେ ଆପଣା ବୀଜକୁ ପୁଷ୍ପିତ କରାଉଅଛ; ମାତ୍ର ଦୁଃଖ ଓ ପ୍ରତିକାରହୀନ ଶୋକ ସମୟରେ ଫଳ ଉଡ଼ିଯାଏ।

12 ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ଵନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି !

13 ନାନା ଦେଶୀୟଗଣ, ମହା ଜଳରାଶି ମାଡ଼ି ଆସିବା ପରି ମାଡ଼ି ଆସୁଅଛନ୍ତି; ମାତ୍ର ସେ ସେମାନଙ୍କୁ ଧମକାଇବେ, ତହିଁରେ ସେମାନେ ଦୂରକୁ ପଳାଇବେ ଓ ବାୟୁ ସମ୍ମୁଖରେ ପର୍ବତସ୍ଥ ତୁଷ ତୁଲ୍ୟ ଓ ପ୍ରଚଣ୍ତ ବାୟୁ ଅଗ୍ରତେ ଘୂର୍ଣ୍ଣାୟମାନ ଧୂଳି ତୁଲ୍ୟ ତାଡ଼ିତ ହେବେ।

14 ଦେଖ, ସନ୍ଧ୍ୟାକାଳେ ତ୍ରାସ ଓ ପ୍ରଭାତର ପୂର୍ବେ ସେମାନେ ନାହାନ୍ତି। ଆମ୍ଭମାନଙ୍କ ଲୁଟକାରୀମାନଙ୍କର ଅଂଶ ଓ ଆମ୍ଭମାନଙ୍କ ଅପହରଣକାରୀମାନଙ୍କ ବାଣ୍ଟ ଏହି।

ODIA-OV (Re-edited) - ପବିତ୍ର ବାଇବଲ (Re-edited)

Copyright © 2014 by The Bible Society of India

Used by permission. All rights reserved worldwide.

Bible Society of India
Lean sinn:



Sanasan