ଯିଶାଇୟ 2 - ପବିତ୍ର ବାଇବଲ (Re-edited) - (BSI)ସ୍ଥାୟୀ ଶାନ୍ତି 1 ଆମୋସର ପୁତ୍ର ଯିଶାଇୟ, ଯିହୁଦା ଓ ଯିରୂଶାଲମ ବିଷୟରେ ଯେଉଁ ଦର୍ଶନ ପାଇଲେ, ତହିଁର ବୃତ୍ତାନ୍ତ। 2 ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ,ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ। 3 ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, ତୁମ୍ଭେମାନେ ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ଵରଙ୍କ ଗୃହକୁ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା; କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ। 4 ପୁଣି, ସେ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଅନେକ ଗୋଷ୍ଠୀ ସମ୍ଵନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଖଡ଼୍ଗ ଭାଙ୍ଗି ନଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦା ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ଼୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ। 5 ହେ ଯାକୁବ ବଂଶ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଦୀପ୍ତିରେ ଗମନ କରୁ। ସଦାପ୍ରଭୁଙ୍କ ଦିନ 6 କାରଣ ତୁମ୍ଭେ ଆପଣା ଲୋକ ଯାକୁବ ବଂଶକୁ ପରିତ୍ୟାଗ କରିଅଛ, ଯେହେତୁ ସେମାନେ ପୂର୍ବଦେଶୀୟ ଆଚାରରେ ପରିପୂର୍ଣ୍ଣ ଓ ପଲେଷ୍ଟୀୟମାନଙ୍କ ନ୍ୟାୟ ଗଣକ ହୋଇଅଛନ୍ତି, ପୁଣି ସେମାନେ ବିଦେଶୀୟ ସନ୍ତାନ-ଗଣ ସହିତ ହସ୍ତ ତାଳି ଦିଅନ୍ତି। 7 ସେମାନଙ୍କ ଦେଶ ମଧ୍ୟ ରୂପା ଓ ସୁନାରେ ପରିପୂର୍ଣ୍ଣ; ସେମାନଙ୍କ ଧନର ସୀମା ନାହିଁ; ଆହୁରି, ସେମାନଙ୍କ ଦେଶ ଅଶ୍ଵରେ ପରିପୂର୍ଣ୍ଣ ଓ ସେମାନଙ୍କ ରଥର ସୀମା ନାହିଁ। 8 ସେମାନଙ୍କ ଦେଶ ମଧ୍ୟ ପ୍ରତିମାରେ ପରିପୂର୍ଣ୍ଣ; ସେମାନେ ଆପଣାମାନଙ୍କ ଅଙ୍ଗୁଳିନିର୍ମିତ ସ୍ଵହସ୍ତକୃତ ବସ୍ତୁକୁ ପ୍ରଣାମ କରନ୍ତି। 9 ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ; ଏହେତୁ ସେମାନଙ୍କୁ କ୍ଷମା କର ନାହିଁ। 10 ତୁମ୍ଭେ ସଦାପ୍ରଭୁଙ୍କ ଭୟାନକତ୍ଵ ଓ ତାହାଙ୍କ ମହିମାର ତେଜରୁ, ଶୈଳରେ ପ୍ରବେଶ କରି ଧୂଳିରେ ଆପଣାକୁ ଲୁଚାଅ। 11 ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି ସେଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ। 12 କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଦିନ ଉପସ୍ଥିତ ହେବ, ତହିଁରେ ତାହା ନତ ହେବ; 13 ଅର୍ଥାତ୍, (ସେଦିନ) ଲିବାନୋନର ଉଚ୍ଚ ଓ ଉନ୍ନତ ସକଳ ଏରସ ବୃକ୍ଷର ପ୍ରତିକୂଳ ଓ ବାଶନର ସମସ୍ତ ଅଲୋନ ବୃକ୍ଷର ପ୍ରତିକୂଳ; 14 ପୁଣି, ସକଳ ଉଚ୍ଚ ପର୍ବତର ପ୍ରତିକୂଳ ଓ ସକଳ ଉନ୍ନତ ଉପପର୍ବତର ପ୍ରତିକୂଳ; 15 ଆଉ, ପ୍ରତ୍ୟେକ ଉଚ୍ଚ ଦୁର୍ଗର ପ୍ରତିକୂଳ ଓ ପ୍ରତ୍ୟେକ ସୁଦୃଢ଼ ପ୍ରାଚୀରର ପ୍ରତିକୂଳ; 16 ତର୍ଶୀଶ୍ର ସକଳ ଜାହାଜର ପ୍ରତିକୂଳ ଓ ମନୋହର ସକଳ ଶିଳ୍ପକର୍ମର ପ୍ରତିକୂଳ ହେବ। 17 ପୁଣି, ମନୁଷ୍ୟର ଉଚ୍ଚତା ନତ ହେବ ଓ ମନୁଷ୍ୟ-ମାନଙ୍କର ଅହଙ୍କାର ଅବନତ ହେବ; ଆଉ ସେଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ। 18 ପୁଣି, ପ୍ରତିମାସକଳ ନିଃଶେଷ ରୂପେ ଲୁପ୍ତ ହେବେ। 19 ଆଉ, ଯେତେବେଳେ ସଦାପ୍ରଭୁ ପୃଥିବୀକି ଅତିଶୟ କମ୍ପିତ କରିବାକୁ ଉଠିବେ, ସେତେବେଳେ ଲୋକମାନେ ତାହାଙ୍କ ଭୟାନକତ୍ଵ ଓ ମହିମାର ତେଜରୁ ଶୈଳର ଗୁମ୍ପା ଓ ପୃଥିବୀର ଗର୍ତ୍ତରେ ପ୍ରବେଶ କରିବେ। 20 ସଦାପ୍ରଭୁ ପୃଥିବୀକି ଅତିଶୟ କମ୍ପିତ କରିବା ପାଇଁ ଉଠିଲେ, ତାହାଙ୍କ ଭୟାନକତ୍ଵ ଓ ତାହାଙ୍କ ମହିମାର ତେଜରୁ ଶୈଳର ଗହ୍ଵର ଓ ଶୈଳର ବିଦୀର୍ଣ୍ଣ ସ୍ଥାନରେ ପ୍ରବେଶ କରିବା ପାଇଁ; 21 ମନୁଷ୍ୟ ଆପଣାର ଭଜନାର୍ଥେ ନିର୍ମିତ ରୌପ୍ୟମୟ ପ୍ରତିମା ଓ ସ୍ଵର୍ଣ୍ଣମୟ ପ୍ରତିମାଗଣକୁ ସେଦିନ ମୂଷିକ ଓ ଚାମଚିକାଗଣର ନିକଟରେ ପକାଇ ଦେବ। 22 ତୁମ୍ଭେମାନେ ନାସାଗ୍ରେ ପ୍ରାଣବାୟୁଧାରୀ ମନୁଷ୍ୟର (ଆଶ୍ରୟରୁ) କ୍ଷା; ହୁଅ; କାରଣ ସେ କାହା ମଧ୍ୟରେ ଗଣ୍ୟ? |
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.
Bible Society of India