Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 85 - ପବିତ୍ର ବାଇବଲ (Re-edited) - (BSI)


ଜାତିର ମଙ୍ଗଳାର୍ଥେ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ।

1 ହେ ସଦାପ୍ରଭୋ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ; ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ।

2 ତୁମ୍ଭେ ଆପଣା ଲୋକମାନଙ୍କ ଅପରାଧ କ୍ଷମା କରିଅଛ, ତୁମ୍ଭେ ସେମାନଙ୍କ ପାପସବୁ ଆଚ୍ଛାଦନ କରିଅଛ। [ସେଲା

3 ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ; ତୁମ୍ଭେ ଆପଣା କ୍ରୋଧର ପ୍ରଚଣ୍ତତାରୁ ବିମୁଖ ହୋଇଅଛ।

4 ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ ଓ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର।

5 ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ? ତୁମ୍ଭେ କି ପୁରୁଷପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ?

6 ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ?

7 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ଦୟା ପ୍ରକାଶ କର ଓ ଆମ୍ଭମାନଙ୍କୁ ତୁମ୍ଭ ପରିତ୍ରାଣ ପ୍ରଦାନ କର।

8 ସଦାପ୍ରଭୁ ପରମେଶ୍ଵର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ।

9 ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି।

10 ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ଵନ କରିଅଛନ୍ତି।

11 ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି; ପୁଣି ଧାର୍ମିକତା ସ୍ଵର୍ଗରୁ ଦୃଷ୍ଟିପାତ କରିଅଛି।

12 ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ; ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ।

13 ଧର୍ମ ତାହାଙ୍କର ଆଗେ ଆଗେ ଯିବ ଓ ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ।

ODIA-OV (Re-edited) - ପବିତ୍ର ବାଇବଲ (Re-edited)

Copyright © 2014 by The Bible Society of India

Used by permission. All rights reserved worldwide.

Bible Society of India
Lean sinn:



Sanasan