ପ୍ରକାଶିତ 20 - ପବିତ୍ର ବାଇବଲ (Re-edited) - (BSI)ସହସ୍ର ବର୍ଷର ରାଜତ୍ଵ 1 ପରେ ମୁଁ ଜଣେ ଦୂତଙ୍କୁ ସ୍ଵର୍ଗରୁ ଓହ୍ଲାଇ ଆସିବାର ଦେଖିଲି। ତାହାଙ୍କ ହସ୍ତରେ ପାତାଳ- କୁଣ୍ତର ଚାବି ଓ ଗୋଟିଏ ବୃହତ୍ ଶୃଙ୍ଖଳ ଥିଲା। 2 ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍, ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ, 3 ପୁଣି ତାହାକୁ ପାତାଳକୁଣ୍ତରେ ନିକ୍ଷେପ କରି ସେଥିର ମୁଖ ବନ୍ଦ କଲେ ଓ ତାହା ଉପରେ ମୁଦ୍ରାଙ୍କ ଦେଲେ, ଯେପରି ସେହି ଏକ ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ସେ ଜାତିସମୂହକୁ ଆଉ ଭ୍ରାନ୍ତ କରି ପାରିବ ନାହିଁସ; ଏହା ପରେ ଅଳ୍ପ କାଳ ନିମନ୍ତେ ତାହାକୁ ମୁକ୍ତ ହେବାକୁ ହେବ। 4 ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ଵରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକଚ୍ଛେଦନ ହୋଇଥିଲା, ପୁଣି ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ। ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କର ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ଵ କଲେ। 5 ଅବଶିଷ୍ଟ ମୃତ ଲୋକମାନେ ସେହି ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ଜୀବିତ ହେଲେ ନାହିଁ। ଏହା ହିଁ ପ୍ରଥମ ପୁନରୁତ୍ଥାନ। 6 ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ଵିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଞ୍ଚ ସେମାନେ ଈଶ୍ଵରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ଵ କରିବେ। ଶୟତାନର ଅନ୍ତିମ ପରାଜୟ 7 ସେହି ସହସ୍ର ବର୍ଷ ଶେଷ ହୁଅନ୍ତେ ଶୟତାନ କାରାଗାରରୁ ମୁକ୍ତ ହେବ; 8 ସେଥିରେ ସେ ପୃଥିବୀର ଚାରି କୋଣରେ ଥିବା ଜାତିସମୂହକୁ, ଅର୍ଥାତ୍, ସମୁଦ୍ରର ବାଲୁକା ସଦୃଶ ଅସଂଖ୍ୟ ଯେ ଗୋଗ୍ ଓ ମାଗୋଗ୍ ସେମାନଙ୍କୁ ଭ୍ରାନ୍ତ କରି ଯୁଦ୍ଧ ନିମନ୍ତେ ଏକତ୍ର କରିବାକୁ ବାହାରିଯିବ। 9 ସେମାନେ ପୃଥିବୀର ପ୍ରସ୍ଥରେ ବିସ୍ତାରିତ ହୋଇ ସାଧୁମାନଙ୍କ ଶିବିର ଓ ପ୍ରିୟତମା ନଗରୀକୁ ବେଷ୍ଟନ କଲେ। ସେତେବେଳେ ସ୍ଵର୍ଗରୁ ଅଗ୍ନି ପଡ଼ି ସେମାନଙ୍କୁ ଗ୍ରାସ କଲା। 10 ଯେଉଁ ଦିଆବଳ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ତ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ। ଶେଷ ବିଚାର 11 ତତ୍ପରେ ମୁଁ ଗୋଟିଏ ବୃହତ୍ ଶ୍ଵେତବର୍ଣ୍ଣ ସିଂହାସନ ଓ ତଦୁପବିଷ୍ଟ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ତଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ,। 12 ପୁଣି ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ। 13 ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ। 14 ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା। ଏହି ମୃତ୍ୟୁ, ଅର୍ଥାତ୍, ଅଗ୍ନିମୟ ହ୍ରଦ, ଦ୍ଵିତୀୟ ମୃତ୍ୟୁ। 15 ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା। |
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.
Bible Society of India