ପ୍ରକାଶିତ 5 - ପବିତ୍ର ବାଇବଲ (Re-edited) - (BSI)ପୁସ୍ତକ ଓ ମେଷଶାବକ 1 ତତ୍ପରେ ମୁଁ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କ ଦକ୍ଷିଣ ହସ୍ତରେ ଗୋଟିଏ ପୁସ୍ତକ ଦେଖିଲି, ତାହା ଉଭୟ ପାର୍ଶ୍ଵରେ ଲିଖିତ ଓ ସପ୍ତ ମୁଦ୍ରାରେ ମୁଦ୍ରାଙ୍କିତ। 2 ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚ ସ୍ଵରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ? 3 କିନ୍ତୁ ସ୍ଵର୍ଗ, ମର୍ତ୍ତ୍ୟ କି ପାତାଳରେ କେହି ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ସକ୍ଷମ ହେଲେ ନାହିଁ। 4 ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ଯୋଗ୍ୟ କେହି ନ ମିଳିବାରୁ ମୁଁ ଅତିଶୟ ରୋଦନ କଲି। 5 ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୁଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି। 6 ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହିସମସ୍ତ ଚକ୍ଷୁ ସମୁଦାୟ ପୃଥିବୀରେ ପ୍ରେରିତ ଈଶ୍ଵରଙ୍କର ସପ୍ତ ଆତ୍ମା। 7 ସେ ଆସି ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରୁ ସେହି ପୁସ୍ତକ ନେଲେ। 8 ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାସ୍ଵରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା। 9 ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି ଆପଣା ରକ୍ତ ଦ୍ଵାରା ସମସ୍ତ ଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଈଶ୍ଵରଙ୍କ ନିମନ୍ତେ ଲୋକମାନଙ୍କୁ କ୍ରୟ କରିଅଛ, 10 ପୁଣି ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ରାଜକୁଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ଵ କରିବେ। 11 ତତ୍ପରେ ମୁଁ ଦୃଷ୍ଟିପାତ କଲି, ପୁଣି ସିଂହାସନ, ପ୍ରାଣୀ ଓ ପ୍ରାଚୀନମାନଙ୍କ ଚତୁର୍ଦ୍ଦିଗରେ ଅନେକ ଅନେକ ଦୂତଙ୍କର ସ୍ଵର ଶୁଣିଲି; ସେମାନଙ୍କର ସଂଖ୍ୟା ସହସ୍ର ସହସ୍ର ଓ ଅୟୁତ ଅୟୁତ। 12 ସେମାନେ ଉଚ୍ଚ ସ୍ଵରରେ କହୁଥିଲେ, ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକହିଁ ଯୋଗ୍ୟ ଅଟନ୍ତି। 13 ଆଉ ମୁଁ ସ୍ଵର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତନ୍ମଧ୍ୟସ୍ଥିତ ସମସ୍ତ ଏହା କହୁଥିବା ଶୁଣିଲି, ପ୍ରଶଂସା, ସମ୍ଭ୍ରମ, ଗୌରବ ଓ କର୍ତ୍ତାପଣ ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ମେଷଶାବକଙ୍କର। 14 ସେଥିରେ ଚାରି ପ୍ରାଣୀ କହିଲେ, ଆମେନ୍, ପୁଣି ପ୍ରାଚୀନମାନେ ଉବୁଡ଼ ହୋଇ ପ୍ରଣାମ କଲେ। |
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.
Bible Society of India