ପରମ ଗୀତ 4 - ପବିତ୍ର ବାଇବଲ (Re-edited) - (BSI)କନ୍ୟାର ସୌନ୍ଦର୍ଯ୍ୟକୁ ବରର ପ୍ରଶଂସା 1 ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ; ଦେଖ, ତୁମ୍ଭେ ସୁନ୍ଦରୀ; ଘୁମୁଟା ତଳେ ତୁମ୍ଭ ନେତ୍ର କପୋତ ତୁଲ୍ୟ; ତୁମ୍ଭର କେଶ ଗିଲିୟଦ ପର୍ବତ ପାର୍ଶ୍ଵରେ ଆରାମକାରୀ ଛେଳିପଲ ତୁଲ୍ୟ। 2 ତୁମ୍ଭର ଦନ୍ତ-ପଂକ୍ତି ନୂତନ ଲୋମକଟା, ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ। 3 ତୁମ୍ଭର ଓଷ୍ଠାଧର ସିନ୍ଦୂରବର୍ଣ୍ଣ ସୂତ୍ର ତୁଲ୍ୟ ଓ ତୁମ୍ଭର ମୁଖ ମନୋହର; ଘୁମୁଟା ତଳେ ତୁମ୍ଭ ଗଣ୍ତଦେଶ ଡାଳିମ୍ଵଖଣ୍ତ ତୁଲ୍ୟ। 4 ତୁମ୍ଭର ଗଳଦେଶ ଅସ୍ତ୍ରାଗାର ନିମନ୍ତେ ନିର୍ମିତ ଦାଉଦଙ୍କ ଦୁର୍ଗ ତୁଲ୍ୟ, ସେହି ଦୁର୍ଗ ମଧ୍ୟରେ ଏକ ସହସ୍ର ଚର୍ମ, ବୀରଗଣର ସକଳ ଢାଲ ଟଙ୍ଗାଗଲା। 5 ଶୋଶନ୍ ପୁଷ୍ପବନରେ ଚରିବାର ଯାଆଁଳା ହରିଣଛୁଆ ତୁଲ୍ୟ ତୁମ୍ଭର ସ୍ତନଯୁଗଳ। 6 ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ମୁଁ ଗନ୍ଧରସ-ପର୍ବତ ଓ କୁନ୍ଦୁରୁ-ଉପପର୍ବତକୁ ଯିବି। 7 ଆଗୋ ମୋହର ପ୍ରିୟେ, ତୁମ୍ଭେ ସର୍ବାଙ୍ଗ ସୁନ୍ଦରୀ; ତୁମ୍ଭଠାରେ କୌଣସି ଖୁଣ ନାହିଁ। 8 ଆଗୋ ମୋହର କନ୍ୟେ, ମୋʼ ସଙ୍ଗେ ଲିବାନୋନରୁ, ମୋʼ ସଙ୍ଗେ ଲିବାନୋନରୁ ଆସ; ଅମାନାର ଶୃଙ୍ଗରୁ, ଶନୀର ଓ ହର୍ମୋଣର ଶୃଙ୍ଗରୁ, ସିଂହମାନଙ୍କ ଗହ୍ଵରରୁ, ଚିତାବାଘମାନଙ୍କ ପର୍ବତରୁ ଦୃଷ୍ଟିପାତ କର। 9 ଆଗୋ ମୋହର ଭଗିନୀ, ଆଗୋ ମୋହର କନ୍ୟେ, ତୁମ୍ଭେ ମୋହର ଚିତ୍ତ ହରଣ କରିଅଛ; ତୁମ୍ଭେ ଆପଣାର ଏକ ଦୃଷ୍ଟିରେ, ଆପଣା ଗଳାର ଏକ ହାରରେ ମୋହର ଚିତ୍ତ ହରଣ କରିଅଛ। 10 ଆଗୋ ମୋହର ଭଗିନୀ, ମୋହର କନ୍ୟେ, ତୁମ୍ଭର ପ୍ରେମ କିପରି ମନୋରମ ! ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ ! ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧିଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ ! 11 ଆଗୋ ମୋହର କନ୍ୟେ, ତୁମ୍ଭ ଓଷ୍ଠାଧରରୁ ମଧୁଚାକ ପରି ଟୋପା ଟୋପା କ୍ଷରେ; ମଧୁ ଓ ଦୁଗ୍ଧ ତୁମ୍ଭ ଜିହ୍ଵା ତଳେ ଥାଏ; ତୁମ୍ଭ ବସ୍ତ୍ରର ସୁଗନ୍ଧ ଲିବାନୋନର ସୁଗନ୍ଧ ତୁଲ୍ୟ। 12 ମୋହର ଭଗିନୀ, ମୋହର କନ୍ୟା ଏକ ରୁଦ୍ଧ ଉଦ୍ୟାନ; ଏକ ରୁଦ୍ଧ ନିର୍ଝର, ଏକ ମୁଦ୍ରାଙ୍କିତ ଜଳାକର। 13 ତୁମ୍ଭର ପଲ୍ଲବ ବହୁମୂଲ୍ୟ ଫଳବିଶିଷ୍ଟ ଡାଳିମ୍ଵ ଉପବନ; ମେହେନ୍ଦି, ଜଟାମାଂସୀ ଚାରାବିଶିଷ୍ଟ, 14 ଜଟାମାଂସୀ ଓ କୁଙ୍କୁମ, ବଚ ଓ ଦାରୁଚିନି, ସର୍ବପ୍ରକାର କୁନ୍ଦୁରୁ ବୃକ୍ଷବିଶିଷ୍ଟ ଗନ୍ଧରସ ଓ ଅଗୁର, ସର୍ବପ୍ରକାର ପ୍ରଧାନ ପ୍ରଧାନ ସୁଗନ୍ଧି ବୃକ୍ଷବିଶିଷ୍ଟ। 15 ତୁମ୍ଭେ ଉଦ୍ୟାନସମୂହର ଜଳାକର, ଅମୃତ ଜଳର କୂପ ଓ ଲିବାନୋନରୁ ପ୍ରବାହିତ ସ୍ରୋତ। 16 ହେ ଉତ୍ତରୀୟ ବାୟୁ, ଜାଗ; ହେ ଦକ୍ଷିଣ ବାୟୁ, ଆସ; ମୋʼ ଉଦ୍ୟାନର ସୁଗନ୍ଧି ଯେପରି ନିର୍ଗତ ହେବ, ଏଥିପାଇଁ ତହିଁ ଉପରେ ବହ। |
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.
Bible Society of India