ଗୀତସଂହିତା 146 - ପବିତ୍ର ବାଇବଲ1 ସଦାପ୍ରଭୁଙ୍କର ପ୍ରଶଂସା କର! ମୁଁ ନିଜକୁ କହେ, ସଦାପ୍ରଭୁଙ୍କର ପ୍ରଶଂସା କର। 2 ମୁଁ ଜୀବନସାରା ସଦାପ୍ରଭୁଙ୍କର ପ୍ରଶଂସା କରିବି। ମୁଁ ଜୀବନସାରା ମୋର ପରମେଶ୍ୱରଙ୍କର ପ୍ରଶଂସାର ଗୀତ ଗାଇବି। 3 ସାହାଯ୍ୟ ପାଇଁ ଅଧିପତିମାନଙ୍କ ଉପରେ ନିର୍ଭର ରଖ ନାହିଁ। ଲୋକମାନଙ୍କ ପ୍ରତି ଭରସା କର ନାହିଁ। କାରଣ ଲୋକମାନେ ତୁମ୍ଭକୁ ରକ୍ଷା କରି ପାରିବେ ନାହିଁ। 4 ଲୋକମାନେ ମରନ୍ତି ଓ କବର ନିଅନ୍ତି। ଆଉ ସେହି ଦିନ, ସେମାନଙ୍କର ଯୋଜନା ସବୁ ମଧ୍ୟ ମରିଯାଏ। 5 କିନ୍ତୁ ସେହିମାନେ ଭାଗ୍ୟବାନ୍ ଯେଉଁମାନଙ୍କର ଯାକୁବର ପରମେଶ୍ୱର ଅଛନ୍ତି, ସେହିମାନଙ୍କୁ ସାହାଯ୍ୟ କରିବା ପାଇଁ, ସେହିମାନେ ସେମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ଉପରେ ନିର୍ଭର କରନ୍ତି। 6 ସଦାପ୍ରଭୁ ସ୍ୱର୍ଗ, ପୃଥିବୀ, ସମୁଦ୍ର ଏବଂ ଏଥିରେ ଥିବା ପ୍ରତ୍ୟେକ ବସ୍ତୁ ମଧ୍ୟ ତିଆରି କଲେ। ସେ ସର୍ବଦା ବିଶ୍ୱସ୍ତ ଅଟନ୍ତି। 7 ସଦାପ୍ରଭୁ ଉପଦ୍ରବ ଗ୍ରସ୍ତ ଲୋକ ପକ୍ଷରେ ଯାହା ନ୍ୟାୟ ତାହା କରନ୍ତି। ସେ କ୍ଷୁଧାର୍ତ୍ତମାନଙ୍କୁ ଖାଦ୍ୟ ଦିଅନ୍ତି। ସଦାପ୍ରଭୁ ବନ୍ଦୀଗଣଙ୍କୁ ମୁକ୍ତ କରନ୍ତି। 8 ସଦାପ୍ରଭୁ ଆମ୍ଭମାନଙ୍କୁ ଦୃଷ୍ଟି ପ୍ରଦାନ କରନ୍ତି। ସଦାପ୍ରଭୁ ବିପଦରେ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି। ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି। 9 ସଦାପ୍ରଭୁ ଆମ୍ଭ ଦେଶରେ ରହୁଥିବା ବିଦେଶୀମାନଙ୍କୁ ରକ୍ଷା କରନ୍ତି। ସେ ପିତୃହୀନ ଓ ବିଧବାଙ୍କର ଯତ୍ନ ନିଅନ୍ତି, ମାତ୍ର ସେ ଦୁଷ୍ଟମାନଙ୍କୁ ଧ୍ୱଂସ କରନ୍ତି। 10 ସଦାପ୍ରଭୁ ଚିରକାଳ ରାଜ୍ୟ କରିବେ। ହେ ସିୟୋନ, ତୁମ୍ଭର ପରମେଶ୍ୱର ସଦାସର୍ବଦା ରାଜ୍ୟ କରିବେ। ସଦାପ୍ରଭୁଙ୍କର ପ୍ରଶଂସା କର। |
Odia Holy Bible: Easy-to-Read Version (OERV)
@ 2004 Bible League International
Bible League International