Biblia Todo Logo
Bìoball air-loidhne

- Sanasan -

ଯୋହନ 1 - ଓଡିଆ ବାଇବେଲ


ଜୀବନ୍ତ, ଦେହବନ୍ତ ବାକ୍ୟ

1 ଆଦ୍ୟରେ ବାକ୍ୟ ଥିଲେ, ବାକ୍ୟ ଈଶ୍ୱରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ୱର ଥିଲେ ।

2 ସେ ଆଦ୍ୟରେ ଈଶ୍ୱରଙ୍କ ସହିତ ଥିଲେ ।

3 ତାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ ହେଲା; ଆଉ ଯେ ସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ ।

4 ତାହାଙ୍କଠାରେ ଜୀବନ ଥିଲା ଓ ସେହି ଜୀବନ ମନୁଷ୍ୟମାନଙ୍କର ଜ୍ୟୋତିଃ ।

5 ସେହି ଜ୍ୟୋତିଃ ଅନ୍ଧକାରରେ ଜାଜ୍ୱଲ୍ୟମାନ ହୋଇ ଆସୁଅଛି, ଆଉ ଅନ୍ଧକାର ତାହା ଗ୍ରହଣ କରି ନାହିଁ ।

6 ଈଶ୍ୱରଙ୍କ ନିକଟରୁ ପ୍ରେରିତ ଜଣେ ବ୍ୟକ୍ତି ଉପସ୍ଥିତ ହେଲେ; ତାହାଙ୍କ ନାମ ଯୋହନ ।

7 ସେ ଯେପରି ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତାହାଙ୍କ ଦ୍ୱାରା ସମସ୍ତେ ବିଶ୍ୱାସ କରନ୍ତି, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ ।

8 ସେ ନିଜେ ସେହି ଜ୍ୟୋତିଃ ନ ଥିଲେ, କିନ୍ତୁ ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ ।

9 ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ ।

10 ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ୱାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ ।

11 ସେ ଆପଣା ରାଜ୍ୟକୁଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ ।

12 ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍‍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ୱରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ;

13 ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ୱରଙ୍କଠାରୁ ଜାତ ହେଲେ ।

14 ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ ।

15 ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚସ୍ୱରରେ କହିଲେ, ଯେ ମୋ' ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି ।

16 ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହ ପ୍ରାପ୍ତ ହୋଇଅଛୁ ।

17 କାରଣ ମୋଶାଙ୍କ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା ।

18 କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ ।


ବାପ୍ତିଜକ ଯୋହନଙ୍କ ସାକ୍ଷ୍ୟ
( ମାଥିଉ 3:1-12 ; ମାର୍କ 1:1-8 ; ଲୂକ 3:1-18 )

19 ଆପଣ କିଏ, ଏହା ଯୋହନଙ୍କୁ ପଚାରିବା ନିମନ୍ତେ ଯିହୂଦୀମାନେ ଯେତେବେଳେ ଯିରୂଶାଲମରୁ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ନିକଟକୁ ପଠାଇଲେ, ସେତେବେଳେ ସେ ଏହି ସାକ୍ଷ୍ୟ ଦେଲେ,

20 ସେ ସ୍ୱୀକାର କଲେ, ଅସ୍ୱୀକାର କଲେ ନାହିଁ; ସେ ସ୍ୱୀକାର କଲେ, ମୁଁ ଖ୍ରୀଷ୍ଟ ନୁହେଁ ।

21 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କ'ଣ ? ଆପଣ କ'ଣ ଏଲୀୟ ? ସେ କହିଲେ, ମୁଁ ନୁହେଁ । ଆପଣ କ'ଣ ସେହି ଭାବବାଦୀ ? ସେ ଉତ୍ତର ଦେଲେ, ନା ।

22 ସେଥିରେ ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କୁ ପଠାଇଥିବା ଲୋକଙ୍କୁ ଯେପରି ଉତ୍ତର ଦେଇପାରୁ, ଏଥିସକାଶେ ଆପଣ କିଏ ? ଆପଣ ନିଜ ବିଷୟରେ କ'ଣ କହୁଅଛନ୍ତି ?

23 ସେ କହିଲେ, ଯିଶାଇୟ ଭାବବାଦୀ ଯେପରି କହିଥିଲେ, ମୁଁ ସେହି ପ୍ରକାର ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ସଳଖ କର ।

24 ପୁଣି, ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ପ୍ରେରିତ ହୋଇଥିଲେ ।

25 ସେମାନେ ତାହାଙ୍କୁ ପଚାରିଲେ, ଆପଣ ଯଦି ଖ୍ରୀଷ୍ଟ ବା ଏଲୀୟ ବା ସେହି ଭାବବାଦୀ ନୁହଁନ୍ତି, ତାହାହେଲେ କାହିଁକି ବାପ୍ତିସ୍ମ ଦେଉଅଛନ୍ତି?

26 ଯୋହନ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଜଳରେ ବାପ୍ତିସ୍ମ ଦେଉଅଛି; ଯାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ, ସେ ତୁମ୍ଭମାନଙ୍କ ମଧ୍ୟରେ ବିଦ୍ୟମାନ;

27 ସେ ମୋ' ଉତ୍ତାରେ ଆସୁଅଛନ୍ତି, ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ ।

28 ଯର୍ଦନର ପରପାରସ୍ଥ ଯେଉଁ ବେଥନୀଆରେ ଯୋହନ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନରେ ଏହି ସବୁ ଘଟିଲା ।


ଈଶ୍ୱରଙ୍କ ମେଷଶାବକ

29 ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ୱରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି ।

30 ମୋ' ଉତ୍ତାରେ ଯେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି ।

31 ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, କିନ୍ତୁ ସେ ଯେପରି ଇସ୍ରାଏଲ ନିକଟରେ ପ୍ରକାଶିତ ହୁଅନ୍ତି, ଏଥିସକାଶେ ମୁଁ ଜଳରେ ବାପ୍ତିସ୍ମ ଦେବାକୁ ଆସିଅଛି ।

32 ଆଉ, ଯୋହନ ସାକ୍ଷ୍ୟ ଦେଇ କହିଲେ, ମୁଁ ଆତ୍ମାଙ୍କୁ କପୋତ ପରି ଆକାଶରୁ ଅବତରଣ କରିବା ଦେଖିଅଛି, ଆଉ ସେ ତାହାଙ୍କ ଉପରେ ଅବସ୍ଥାନ କଲେ ।

33 ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, ମାତ୍ର ଯେ ମୋତେ ଜଳରେ ବାପ୍ତିସ୍ମ ଦେବାକୁ ପଠାଇଲେ, ସେ ମୋତେ କହିଲେ, ଯାହାଙ୍କ ଉପରେ ଆତ୍ମାଙ୍କୁ ଅବତରଣ ଓ ଅବସ୍ଥାନ କରିବା ଦେଖିବ, ଯେ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦିଅନ୍ତି, ସେ ସେହି ବ୍ୟକ୍ତି ।

34 ଆଉ, ମୁଁ ତାହା ଦେଖିଅଛି ଓ ସେ ଈଶ୍ୱରଙ୍କ ପୁତ୍ର ବୋଲି ସାକ୍ଷ୍ୟ ଦେଇଅଛି ।


ପ୍ରଥମ ଶିଷ୍ୟଙ୍କୁ ଆହ୍ୱାନ

35 ତହିଁ ଆରଦିନ ପୁନର୍ବାର ଯୋହନ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣ ଠିଆ ହୋଇଥିଲେ;

36 ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ୱରଙ୍କ ମେଷଶାବକ ।

37 ସେହି ଦୁଇ ଜଣ ଶିଷ୍ୟ ତାହାଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଗଲେ ।

38 ଯୀଶୁ ବୁଲିପଡ଼ି ସେମାନଙ୍କୁ ପଛେ ପଛେ ଆସୁଥିବା ଦେଖି ପଚାରିଲେ, ତୁମ୍ଭେମାନେ କ'ଣ ଖୋଜୁଅଛ ? ସେମାନେ ତାହାଙ୍କୁ ପଚାରିଲେ, ରାବ୍ବୀ (ଅନୁବାଦ କଲେ ଏହାର ଅର୍ଥ ଗୁରୁ), ଆପଣ କେଉଁଠାରେ ରୁହନ୍ତି ?

39 ସେ ସେମାନଙ୍କୁ କହିଲେ, ଆସ, ଦେଖିବ । ସେଥିରେ ସେମାନେ ଯାଇ ତାହାଙ୍କ ବସା ଦେଖିଲେ, ପୁଣି, ସେହି ଦିନ ତାହାଙ୍କ ସାଙ୍ଗରେ ରହିଲେ; ସେତେବେଳେ ସକାଳ ପ୍ରାୟ ଦଶ ଘଣ୍ଟା ହୋଇଥିଲା ।

40 ଯେଉଁ ଦୁଇ ଜଣ ଯୋହନଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରୀୟ ଥିଲେ ।

41 ସେ ପ୍ରଥମେ ଆପଣା ଭାଇ ଶିମୋନଙ୍କ ଦେଖା ପାଇ ତାହାଙ୍କୁ କହିଲେ, ଆମ୍ଭେମାନେ ମସୀହଙ୍କର (ଅନୁବାଦ କଲେ ଏହି ନାମର ଅର୍ଥ ଖ୍ରୀଷ୍ଟ) ଦେଖା ପାଇଅଛୁ ।

42 ସେ ତାଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ । ଯୀଶୁ ତାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ । ତୁମ୍ଭେ କୈଫା (ଅନୁବାଦ କଲେ ଏହାର ଅର୍ଥ ପିତର) ନାମରେ ଖ୍ୟାତ ହେବ ।


ଫିଲିପ୍ପ ଓ ନିଥନିୟେଲଙ୍କୁ ଆହ୍ୱାନ

43 ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାଙ୍କୁ କହିଲେ, ମୋହର ଅନୁଗମନ କର ।

44 ଫିଲିପ୍ପ ବେଥ୍‍ସାଇଦାର ଲୋକ ଥିଲେ, ତାହା ଆନ୍ଦ୍ରୀୟ ଓ ପିତରଙ୍କର ନଗର ଥିଲା ।

45 ଫିଲିପ୍ପ ନିଥନିୟେଲଙ୍କ ଦେଖା ପାଇ ତାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ମୋଶାଙ୍କ ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ ।

46 ନିଥନିୟେଲ ତାଙ୍କୁ ପଚାରିଲେ, ନାଜରିତରୁ କି କୌଣସି ଉତ୍ତମ ବିଷୟ ଉତ୍ପନ୍ନ ହୋଇ ପାରେ ? ଫିଲିପ୍ପ ତାଙ୍କୁ କହିଲେ, ଆସି ଦେଖ ।

47 ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାଙ୍କ ବିଷୟରେ କହିଲେ, ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ ।

48 ନିଥନିୟେଲ ତାହାଙ୍କୁ ପଚାରିଲେ, ଆପଣ ମୋତେ କିପରି ଚିହ୍ନିଲେ ? ଯୀଶୁ ତାଙ୍କୁ ଉତ୍ତର ଦେଲେ, ଫିଲିପ୍ପ ତୁମ୍ଭକୁ ଡାକିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମ୍ବିରି ଗଛ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି ।

49 ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ ଆପଣ ଈଶ୍ୱରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା ।

50 ଯୀଶୁ ତାଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ଡିମ୍ବିରି ଗଛ ତଳେ ଦେଖିଥିଲି ବୋଲି କହିବାରୁ କି ତୁମ୍ଭେ ବିଶ୍ୱାସ କରୁଅଛ ? ତୁମ୍ଭେ ଏହାଠାରୁ ଆହୁରି ମହତ‍୍ ମହତ‍୍ ବିଷୟ ଦେଖିବ ।

51 ପୁଣି, ସେ ତାହାଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ସ୍ୱର୍ଗକୁ ଉନ୍ମୁକ୍ତ ଓ ଈଶ୍ୱରଙ୍କ ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ଉପରେ ଆରୋହଣ ଓ ଅବତରଣ କରିବା ଦେଖିବ ।

© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0

Bridge Connectivity Solutions Pvt. Ltd.
Lean sinn:



Sanasan