ଆୟୁବ 7 - ଓଡିଆ ବାଇବେଲଆୟୁବ - ମୋର ଜୀବନରେ ଭରସା ନାହିଁ 1 ପୃଥିବୀରେ କ’ଣ ମନୁଷ୍ୟର ଯୁଦ୍ଧ ହୁଏ ନାହିଁ ? ଓ ତାହାର ଦିନସମୂହ କ’ଣ ବେତନଜୀବୀର ଦିନ ତୁଲ୍ୟ ନୁହେଁ ? 2 ଦାସ ଯେପରି ଛାୟାର ଆକାଂକ୍ଷା କରେ, ବେତନଜୀବୀ ଯେପରି ଆପଣା ବେତନର ଅପେକ୍ଷା କରେ; 3 ମୁଁ ସେପରି ଅସାରତାବିଶିଷ୍ଟ ମାସମାନର ଅଧିକାରୀ କରା ଯାଇଅଛି ଓ କ୍ଳାନ୍ତିଜନକ ରାତ୍ରିମାନ ମୋ’ ପାଇଁ ନିରୂପିତ ହୋଇଅଛି। 4 ମୁଁ ଶୟନ କାଳରେ କହେ, କେବେ ମୁଁ ଉଠିବି ? ମାତ୍ର ରାତ୍ରି ଦୀର୍ଘ ହୁଏ; ଆଉ, ମୁଁ ପ୍ରଭାତ ପର୍ଯ୍ୟନ୍ତ ନିରନ୍ତର ଛଟପଟ ହେଉଥାଏ। 5 ମୋହର ମାଂସ କୀଟ ଓ ଧୂଳିଟେଳା ପରିହିତ; ମୋହର ଚର୍ମ ମିଶିଯାଏ ଓ ପୁନର୍ବାର ଫାଟିଯାଏ। 6 ମୋହର ଦିନ ତନ୍ତୀର ନଳୀଠାରୁ ଶୀଘ୍ରଗାମୀ ଓ ଭରସା ବିନା ବ୍ୟୟ ହୋଇଯାଏ। 7 ଆହେ, ମୋହର ପ୍ରାଣ ବାୟୁ ମାତ୍ର ବୋଲି ସ୍ମରଣ କର; ମୋହର ଚକ୍ଷୁ ଆଉ ମଙ୍ଗଳ ଦେଖିବ ନାହିଁ। 8 ଯାହାର ଚକ୍ଷୁ ମୋତେ ଦେଖେ, ସେ ଆଉ ମୋତେ ଦେଖିବ ନାହିଁ; ମୋ’ ପ୍ରତି ତୁମ୍ଭର ଦୃଷ୍ଟି ପଡ଼ିବ, ମାତ୍ର ମୁଁ ନ ଥିବି। 9 ମେଘ ଯେପରି କ୍ଷୟ ପାଇ ଅନ୍ତର୍ହିତ ହୁଏ, ସେପରି ଯେ ପାତାଳକୁ ଓହ୍ଲାଇଯାଏ, ସେ ଆଉ ଉଠି ଆସିବ ନାହିଁ। 10 ସେ ଆଉ ଆପଣା ଗୃହକୁ ଫେରି ଆସିବ ନାହିଁ, କିଅବା ତାହାର ବାସସ୍ଥାନ ତାହାକୁ ଆଉ ଚିହ୍ନିବ ନାହିଁ। 11 ଏହେତୁ ମୁଁ ଆପଣା ମୁଖ ବନ୍ଦ କରିବି ନାହିଁ; ମୁଁ ଆପଣା ମନର ବେଦନାରେ କଥା କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ ବିଳାପ କରିବି। 12 ମୁଁ କ’ଣ ସମୁଦ୍ର ଅବା ତିମିମତ୍ସ୍ୟ ଯେ, ତୁମ୍ଭେ ମୋ’ ଉପରେ ପ୍ରହରୀ ରଖୁଅଛ ? 13 ମୋ’ ପଲଙ୍କ ମୋତେ ସାନ୍ତ୍ୱନା ଦେବ, ମୋହର ଶଯ୍ୟା ମୋର ଦୁଃଖ ଉପଶମ କରିବ ବୋଲି କହିଲା ବେଳେ, 14 ତୁମ୍ଭେ ସ୍ୱପ୍ନରେ ମୋତେ ଭୟ ଦେଖାଉଅଛ ଓ ନାନା ଦର୍ଶନ ଦ୍ୱାରା ମୋତେ ତ୍ରାସଯୁକ୍ତ କରୁଅଛ। 15 ତେଣୁ ମୋହର ପ୍ରାଣ ମୋହର ଏହି ଅସ୍ଥି ଅପେକ୍ଷା ଶ୍ୱାସରୋଧ ଓ ମରଣ ପସନ୍ଦ କରେ। 16 ମୁଁ ଆପଣା ପ୍ରାଣକୁ ଘୃଣା କରେ, ମୁଁ ସର୍ବଦା ବଞ୍ଚିବାକୁ ଇଚ୍ଛା କରେ ନାହିଁ; ମୋତେ ଛାଡ଼; କାରଣ ମୋହର ଆୟୁ ଅସାର। 17 ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ପ୍ରତି ମନୋଯୋଗ କରିବ ଓ ତାହା ପ୍ରତି ଆପଣା ହୃଦୟ ରଖିବ, 18 ଆଉ, ପ୍ରତି ପ୍ରଭାତରେ ତାହାର ତତ୍ତ୍ୱ ନେବ ଓ ପ୍ରତି ନିମିଷରେ ତାହାର ପରୀକ୍ଷା କରିବ ? 19 ତୁମ୍ଭେ କେତେ କାଳ ମୋ’ଠାରୁ ଆପଣା ଦୃଷ୍ଟି ଫେରାଇବ ନାହିଁ, କିଅବା ମୁଁ ଆପଣା ଛେପ ଢୋକିବା ପର୍ଯ୍ୟନ୍ତ ମୋତେ ଛାଡ଼ି ଦେବ ନାହିଁ ? 20 ହେ ମନୁଷ୍ୟ-ପ୍ରହରୀ, ମୁଁ ପାପ କଲେ ତୁମ୍ଭର କ’ଣ କରେ ? କାହିଁକି ତୁମ୍ଭେ ମୋତେ ଆପଣା ଲକ୍ଷ୍ୟ ରୂପେ ରଖିଅଛ ? ତେଣୁ ମୁଁ ଆପଣା ପ୍ରତି ଭାର ସ୍ୱରୂପ ହେଉଅଛି ? 21 ପୁଣି, ତୁମ୍ଭେ କାହିଁକି ମୋହର ଅପରାଧ କ୍ଷମା କରୁ ନାହଁ ଓ ମୋହର ଅଧର୍ମ ଦୂର କରୁ ନାହଁ ? କାରଣ ଏବେ ମୁଁ ଧୂଳିରେ ଶୟନ କରିବି; ପୁଣି, ତୁମ୍ଭେ ଯତ୍ନପୂର୍ବକ ମୋହର ଅନ୍ଵେଷଣ କରିବ, ମାତ୍ର ମୁଁ ନ ଥିବି। |
© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0
Bridge Connectivity Solutions Pvt. Ltd.