ମାଥିଉ 4 - ଓଡିଆ ବାଇବେଲଯୀଶୁ ପରୀକ୍ଷାର ସମ୍ମୁଖୀନ ( ମାର୍କ 1:12-13 ; ଲୂକ 4:1-13 ) 1 ସେତେବେଳେ ଯୀଶୁ ଶୟତାନ ଦ୍ୱାରା ପରୀକ୍ଷିତ ହେବା ନିମନ୍ତେ ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତ ହେଲେ, 2 ପୁଣି, ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ । 3 ଆଉ ପରୀକ୍ଷକ ତାହାଙ୍କ ନିକଟକୁ ଆସି କହିଲା, "ତୁମ୍ଭେ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ଏହି ପଥରଗୁଡିକୁ ରୁଟି ହେବା ପାଇଁ ଆଜ୍ଞା ଦିଅ ।" 4 କିନ୍ତୁ ଯୀଶୁ ଉତ୍ତର ଦେଲେ, "ଲେଖା ଅଛି, 'ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ୱରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ ।'" 5 ତହିଁ ଉତ୍ତାରେ ଶୟତାନ ଯୀଶୁଙ୍କୁ ପୁଣ୍ୟ ନଗରୀକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା, 6 ତୁମ୍ଭେ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ତଳକୁ ଡେଇଁପଡ଼, କାରଣ ଲେଖା ଅଛି, ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ, ଆଉ କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ । 7 ଯୀଶୁ ତାହାଙ୍କୁ କହିଲେ, ଆହୁରି ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପରୀକ୍ଷା କରିବ ନାହିଁ । 8 ପୁଣି, ଥରେ ଶୟତାନ ଯୀଶୁଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ନେଇଯାଇ ଜଗତର ସମସ୍ତ ରାଜ୍ୟ ଓ ସେ ସବୁର ଏୗଶ୍ୱର୍ଯ୍ୟ ଦେଖାଇ କହିଲା, 9 ତୁମ୍ଭେ ଯେବେ ଆମ୍ଭକୁ ଭୂମିଷ୍ଠ ପ୍ରଣାମ କରିବ, ତେବେ ଆମ୍ଭେ ଏହି ସମସ୍ତ ତୁମ୍ଭକୁ ଦେବା । 10 ତହିଁରେ ଯୀଶୁ ତାହାକୁ କହିଲେ, ଦୂର ହ, ଶୟତାନ, କାରଣ ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ । 11 ଏଥିରେ ଶୟତାନ ତାହାଙ୍କୁ ଛାଡ଼ି ଚାଲିଗଲା, ଆଉ ଦେଖ, ଦୂତମାନେ ଆସି ତାହାଙ୍କର ସେବା କରିବାକୁ ଲାଗିଲେ । ଯୀଶୁଙ୍କ ସେବାକାର୍ଯ୍ୟ ଆରମ୍ଭ ( ମାର୍କ 1:14 , 15 ; ଲୂକ 4:14 , 15 , 31 ) 12 ପରେ ଯୋହନ ଧରାପଡ଼ିଲେଣି ବୋଲି ଶୁଣି ସେ ଅନ୍ତର ହୋଇ ଗାଲିଲୀକୁ ପ୍ରସ୍ଥାନ କଲେ; 13 ଆଉ ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲୀ ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ, 14 ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, 15 ସବୂଲୂନ ଦେଶ ଓ ନପ୍ତାଲି ଦେଶ, ସମୁଦ୍ର ନିକଟବର୍ତ୍ତୀ ଓ ଯର୍ଦନର ଅପର ପାର୍ଶ୍ୱସ୍ଥ ଅଣଯିହୂଦୀମାନଙ୍କ ଗାଲିଲୀ, 16 ଅନ୍ଧକାରବାସୀ ଲୋକେ ମହା ଆଲୋକ ଦର୍ଶନ କଲେ, ଆଉ ମୃତ୍ୟୁର ଅଞ୍ଚଳ ଓ ଛାୟାରେ ଅବସ୍ଥିତ ଲୋକଙ୍କ ନିମନ୍ତେ ଆଲୋକ ଉଦିତ ହେଲା । 17 ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, "ମନପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ ।" ପ୍ରଥମ ଶିଷ୍ୟଙ୍କୁ ଆହ୍ୱାନ ( ମାର୍କ 1:16-20 ; ଲୂକ 5:1-11 ; ଯୋହନ 1:35-42 ) 18 ସେ ଗାଲିଲୀ ସମୁଦ୍ରକୂଳରେ ବୁଲୁଥିବା ସମୟରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଏହି ଦୁଇ ଭାଇଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ । 19 ସେ ସେମାନଙ୍କୁ କହିଲେ, "ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି ।" 20 ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ । 21 ପୁଣି, ସେ ସେଠାରୁ ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ ନାମକ ଆଉ ଦୁଇ ଭାଇଙ୍କୁ ସେମାନଙ୍କ ପିତା ଜେବଦୀଙ୍କ ସହିତ ନୌକାରେ ଜାଲ ସଜାଡ଼ୁଥିବା ଦେଖି ସେମାନଙ୍କୁ ଡାକିଲେ । 22 ସେଥିରେ ସେମାନେ ସେହିକ୍ଷଣି ନୌକା ଓ ସେମାନଙ୍କର ପିତାଙ୍କୁ ଛାଡ଼ି ତାହାଙ୍କର ଅନୁଗମନ କଲେ । ଯୀଶୁଙ୍କ ସେବାକାର୍ଯ୍ୟ ( ଲୂକ 6:17-19 ) 23 ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ବୁଲିବାକୁ ଲାଗିଲେ, 24 ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ । 25 ପୁଣି, ଗାଲିଲୀ, ଦେକାପଲି, ଯିରୂଶାଲମ, ଯିହୂଦା ପ୍ରଦେଶ ଓ ଯର୍ଦନର ଅପର ପାରିରୁ ବହୁସଂଖ୍ୟକ ଲୋକ ଆସି ତାହାଙ୍କ ପଛରେ ଗଲେ । |
© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0
Bridge Connectivity Solutions Pvt. Ltd.