ହିତୋପଦେଶ 27 - ଓଡିଆ ବାଇବେଲ1 ତୁମ୍ଭେ କାଲିର ବିଷୟରେ ଦର୍ପ କଥା କୁହ ନାହିଁ; ଯେହେତୁ ଏକ ଦିନ କଅଣ ଉତ୍ପାଦନ କରିବ, ତାହା ତୁମ୍ଭକୁ ଜଣା ନାହିଁ। 2 ଅନ୍ୟ ଲୋକ ତୁମ୍ଭର ପ୍ରଶଂସା କରୁ, ମାତ୍ର ତୁମ୍ଭର ନିଜ ମୁଖ ତାହା ନ କରୁ; ଅପର ଲୋକ କରୁ, ମାତ୍ର ତୁମ୍ଭ ନିଜ ଓଷ୍ଠ ତାହା ନ କରୁ। 3 ଭାରୀ ପଥର ଓ ଗୁରୁ ବାଲି; ମାତ୍ର ଅଜ୍ଞାନର ବିରକ୍ତି, ସେ ଦୁଇରୁ ଭାରୀ। 4 କୋପ ନିଷ୍ଠୁର ଓ କ୍ରୋଧ ପ୍ରଳୟକାରୀ; ମାତ୍ର ଅନ୍ତର୍ଜ୍ୱାଳା ଆଗରେ କିଏ ଠିଆ ହୋଇ ପାରେ ? 5 ଗୁପ୍ତ ପ୍ରେମଠାରୁ ପ୍ରକାଶିତ ଅନୁଯୋଗ ଭଲ। 6 ପ୍ରେମକାରୀର କ୍ଷତ ବିଶ୍ୱାସନୀୟ; ମାତ୍ର ଶତ୍ରୁର ଚୁମ୍ବନ ବହୁଳ। 7 ତୃପ୍ତ ପ୍ରାଣୀ ମହୁଚାକକୁ ଘୃଣା କରେ; ମାତ୍ର କ୍ଷୁଧାର୍ତ୍ତ ପ୍ରାଣୀକୁ ତିକ୍ତ ଦ୍ରବ୍ୟସବୁ ମିଷ୍ଟ। 8 ଯେଉଁ ଲୋକ ଆପଣା ସ୍ଥାନ ଛାଡ଼ି ଭ୍ରମଣ କରେ, ସେ ବସାରୁ ଭ୍ରମଣକାରୀ ପକ୍ଷୀର ତୁଲ୍ୟ। 9 ତୈଳ ଓ ସୁଗନ୍ଧି ଧୂପ ମନକୁ ଆହ୍ଲାଦିତ କରେ, ମନର ମନ୍ତ୍ରଣାରୁ ଜାତ ମିତ୍ରର ମିଷ୍ଟତା ତଦ୍ରୁପ କରେ। 10 ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ; ପୁଣି, ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ; ଦୂରସ୍ଥ ଭାଇଠାରୁ ନିକଟସ୍ଥ ପ୍ରତିବାସୀ ଭଲ। 11 ହେ ମୋହର ପୁତ୍ର, ଜ୍ଞାନବାନ ହୁଅ ଓ ମୋ’ ମନକୁ ଆହ୍ଲାଦିତ କର; ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେଇ ପାରିବି। 12 ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅସତର୍କ ଲୋକ ଆଗ ବଢ଼ି ଶାସ୍ତି ପାଏ। 13 ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେ ପରସ୍ତ୍ରୀ ପାଇଁ ଜାମିନ୍ ହୁଏ, ତାହାକୁ ବନ୍ଧକ ରଖ। 14 ଯେଉଁ ଲୋକ ଅତି ପ୍ରଭାତରେ ଉଠି ଆପଣା ମିତ୍ରକୁ ଉଚ୍ଚ ରବରେ ଆଶୀର୍ବାଦ କରେ, ତାହାର ସେହି କର୍ମ ତାହା ପ୍ରତି ଅଭିଶାପ ରୂପେ ଗଣିତ ହେବ। 15 ଭାରୀ ବୃଷ୍ଟିଦିନରେ ଅବିରତ ବିନ୍ଦୁପାତ ଓ କଳିହୁଡ଼ୀ ସ୍ତ୍ରୀ, ଏ ଦୁଇ ଏକ ସମାନ ଅଟନ୍ତି। 16 ଯେ ତାକୁ ଅଟକାଏ, ସେ ବାୟୁକୁ ଅଟକାଏ ଓ ତାହାର ଦକ୍ଷିଣ ହସ୍ତ ତୈଳ ଉପରେ ପଡ଼େ। 17 ଯେପରି ଲୁହା ଲୁହାକୁ ସତେଜ କରେ, ସେପରି ମନୁଷ୍ୟ ଆପଣା ବନ୍ଧୁର ମୁଖ ସତେଜ କରେ। 18 ଯେକେହି ଡିମ୍ବିରି ବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ; ପୁଣି, ଯେ ଆପଣା ପ୍ରଭୁ ପ୍ରତି ମନୋଯୋଗୀ ଥାଏ, ସେ ସମ୍ମାନ ପାଏ। 19 ଯେପରି ଜଳ ମୁଖକୁ ମୁଖ ଦେଖାଏ, ସେପରି ହୃଦୟ ମନୁଷ୍ୟକୁ ମନୁଷ୍ୟ ଦେଖାଏ। 20 ଯେପରି ପାତାଳ ଓ ବିନାଶ ସ୍ଥାନ କେତେବେଳେ ତୃପ୍ତ ନୁହେଁ, ସେପରି ମନୁଷ୍ୟର ଇଚ୍ଛାସକଳ କେତେବେଳେ ତୃପ୍ତ ନୁହେଁ। 21 କୋୟିରେ ରୂପା, ଉହ୍ମାଇରେ ସୁନା, ପ୍ରଶଂସାରେ ମନୁଷ୍ୟ ପରୀକ୍ଷିତ ହୁଏ। 22 ତୁମ୍ଭେ ଗହମ ସହିତ ଅଜ୍ଞାନକୁ ଢିଙ୍କିରେ କୁଟିଲେ ହେଁ ତାହାର ଅଜ୍ଞାନତା ଛାଡ଼ିଯିବ ନାହିଁ। 23 ତୁମ୍ଭେ ଆପଣା ମେଷପଲର ଅବସ୍ଥା ଜାଣିବା ପାଇଁ ଯତ୍ନବାନ ହୁଅ, ପୁଣି ଆପଣା ପଶୁପଲ ବିଷୟରେ ଉତ୍ତମ ରୂପେ ମନୋଯୋଗ କର। 24 କାରଣ ସମ୍ପତ୍ତି ଅନନ୍ତକାଳସ୍ଥାୟୀ ନୁହେଁ ଓ ମୁକୁଟ କ’ଣ ପୁରୁଷାନୁକ୍ରମରେ ଥାଏ ? 25 ଘାସ କଟା ହେଲେ କଅଁଳ ଘାସ ପ୍ରକାଶ ପାଏ, ଆଉ ପର୍ବତମାନର ତୃଣ ସଂଗୃହୀତ ହୁଏ। 26 ମେଷଛୁଆମାନେ ତୁମ୍ଭକୁ ବସ୍ତ୍ର ଦେବେ; ପୁଣି, ଛେଳି ତୁମ୍ଭ କ୍ଷେତ୍ରର ମୂଲ୍ୟ ସ୍ୱରୂପ ଅଟେ। 27 ପୁଣି, ଛେଳିଦୁଧ ତୁମ୍ଭର ଓ ତୁମ୍ଭ ପରିବାରର ଭକ୍ଷ୍ୟ ପାଇଁ ଯଥେଷ୍ଟ ହେବ; ଆଉ, ତୁମ୍ଭ ଦାସୀମାନଙ୍କ ପାଇଁ ଉପଜୀବିକା ହେବ। |
© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0
Bridge Connectivity Solutions Pvt. Ltd.