ଗୀତସଂହିତା 139 - ଓଡିଆ ବାଇବେଲସର୍ବଜ୍ଞାତା ମଙ୍ଗଳମୟ ସଦାପ୍ରଭୁ ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। 1 ହେ ସଦାପ୍ରଭୁ, ତୁମ୍ଭେ ମୋହର ଅନୁସନ୍ଧାନ କରିଅଛ ଓ ମୋହର ପରିଚୟ ନେଇଅଛ। 2 ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଂକଳ୍ପ ବୁଝୁଅଛ। 3 ତୁମ୍ଭେ ମୋହର ଗମନ ଓ ଶୟନ ଅନୁସନ୍ଧାନ କରୁଅଛ, ଆଉ ମୋହର ସକଳ ଗତି ଜାଣୁଅଛ। 4 କାରଣ ହେ ସଦାପ୍ରଭୁ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, ଏପରି ଗୋଟିଏ କଥା ମୋ’ ଜିହ୍ୱାରେ ନାହିଁ। 5 ତୁମ୍ଭେ ମୋତେ ପଛରେ ଓ ଆଗରେ ଘେରିଅଛ ଓ ମୋ’ ଉପରେ ଆପଣା ହସ୍ତ ରଖିଅଛ। 6 ଏହି ପ୍ରକାର ଜ୍ଞାନ ମୋ’ ପ୍ରତି ଅତି ଆଶ୍ଚର୍ଯ୍ୟ; ତାହା ଉଚ୍ଚ, ମୋ’ ବୋଧର ଅଗମ୍ୟ। 7 ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି ? ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି ? 8 ଯଦି ମୁଁ ସ୍ୱର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ। ଯଦି ମୁଁ ପାତାଳରେ ବିଛଣା କରେ, ତେବେ ଦେଖ, ତୁମ୍ଭେ ସେଠାରେ 9 ଯଦି ମୁଁ ଅରୁଣର ପକ୍ଷ ଧରେ ଓ ସମୁଦ୍ରର ପ୍ରାନ୍ତ ସୀମାରେ ବାସ କରେ; 10 ସେଠାରେ ହେଁ ତୁମ୍ଭର ହସ୍ତ ମୋତେ ଚଳାଇବ ଓ ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରିବ। 11 ଯଦି ମୁଁ କହେ, “ନିଶ୍ଚୟ ଅନ୍ଧକାର ମୋତେ ମଗ୍ନ କରିବ ଓ ମୋ’ ଚତୁର୍ଦ୍ଦିଗସ୍ଥ ଆଲୁଅ ରାତ୍ରି ହେବ,” 12 ତେବେ ଅନ୍ଧକାର ହିଁ ତୁମ୍ଭଠାରୁ ଲୁଚାଏ ନାହିଁ, ବରଞ୍ଚ ରାତ୍ରି ଦିବସ ପରି ଦୀପ୍ତିମାନ ହୁଏ; ତୁମ୍ଭ ପ୍ରତି ଅନ୍ଧାର ଓ ଆଲୁଅ ଦୁଇ ସମାନ। 13 କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା; ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ। 14 ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୁଁ ଭଲ ରୂପେ ଜାଣେ। 15 ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା। 16 ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ଡ ଦେଖିଲା ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା। 17 ହେ ପରମେଶ୍ୱର, ଆହୁରି ତୁମ୍ଭର ସଂକଳ୍ପସକଳ ମୋ’ ପ୍ରତି କିପରି ବହୁମୂଲ୍ୟ ! ତହିଁର ସଂଖ୍ୟା କିପରି ଅଧିକ ! 18 ମୁଁ ସେସବୁ ଗଣନା କରିବାକୁ ଗଲେ, ତାହା ସଂଖ୍ୟାରେ ବାଲୁକା ଅପେକ୍ଷା ଅଧିକ; ଯେତେବେଳେ ମୁଁ ଜାଗ୍ରତ ହୁଏ, ସେତେବେଳେ ହେଁ ମୁଁ ତୁମ୍ଭ ନିକଟରେ ଥାଏ। 19 ହେ ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଦୁଷ୍ଟମାନଙ୍କୁ ବଧ କରିବ; ଏହେତୁ ହେ ହତ୍ୟାକାରୀ ଲୋକମାନେ, ତୁମ୍ଭେମାନେ ମୋ’ ନିକଟରୁ ଦୂର ହୁଅ। 20 କାରଣ ସେମାନେ ଦୁଷ୍ଟ ଭାବରେ ତୁମ୍ଭ ବିରୁଦ୍ଧରେ କଥା କହନ୍ତି ଓ ତୁମ୍ଭ ଶତ୍ରୁମାନେ ବ୍ୟର୍ଥରେ ତୁମ୍ଭ ନାମ ଧରନ୍ତି। 21 ହେ ସଦାପ୍ରଭୁ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କ’ଣ ଘୃଣା କରୁ ନାହିଁ ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କ’ଣ ବିରକ୍ତ ହେଉ ନାହିଁ ? 22 ମୁଁ ସେମାନଙ୍କୁ ସମ୍ପୂର୍ଣ୍ଣ ଘୃଣାରେ ଘୃଣା କରେ; ମୁଁ ସେମାନଙ୍କୁ ଆପଣାର ଶତ୍ରୁ ବୋଲି ଜ୍ଞାନ କରେ। 23 ହେ ପରମେଶ୍ୱର, ମୋହର ଅନୁସନ୍ଧାନ କର ଓ ମୋ’ ଅନ୍ତଃକରଣର ପରିଚୟ ନିଅ; ମୋତେ ପରୀକ୍ଷା କର ଓ ମୋହର ସଂକଳ୍ପସବୁ ଜ୍ଞାତ ହୁଅ; 24 ଆଉ, ମୋ’ ଅନ୍ତରରେ ଦୁଷ୍ଟତାର କୌଣସି ଆଚରଣ ଅଛି କି ନାହିଁ, ଏହା ଦେଖ, ପୁଣି, ଅନନ୍ତ ପଥରେ ମୋତେ ଗମନ କରାଅ। |
© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0
Bridge Connectivity Solutions Pvt. Ltd.