ଗୀତସଂହିତା 24 - ଓଡିଆ ବାଇବେଲମହାନ ରାଜା ଦାଉଦଙ୍କର ଗୀତ। 1 ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର। 2 କାରଣ ସେ ସମୁଦ୍ର ଉପରେ ତାହା ସ୍ଥାପନ କରିଅଛନ୍ତି ଓ ନଦୀ ଉପରେ ତାହା ଦୃଢ଼ କରିଅଛନ୍ତି। 3 କିଏ ସଦାପ୍ରଭୁଙ୍କ ପର୍ବତରେ ଆରୋହଣ କରିବ ? ଓ କିଏ ତାହାଙ୍କ ପବିତ୍ର ସ୍ଥାନରେ ଠିଆ ହେବ ? 4 ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି, ଯେ ଛଳ ଭାବରେ ଶପଥ କରି ନାହିଁ, ସେ। 5 ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ୱରୂପ ପରମେଶ୍ୱରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ। 6 ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି। [ସେଲା] 7 ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ଟେକି ହୁଅ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ। 8 ଗୌରବମୟ ରାଜା କିଏ ? ବଳବାନ ଓ ବୀର ସଦାପ୍ରଭୁ, ସଂଗ୍ରାମରେ ବୀର ସଦାପ୍ରଭୁ। 9 ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ମସ୍ତକ ଟେକ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ। 10 ଏହି ଗୌରବମୟ ରାଜା କିଏ ? ବାହିନୀଗଣର ସଦାପ୍ରଭୁ, ସେ ଗୌରବମୟ ରାଜା ଅଟନ୍ତି। [ସେଲା] |
© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0
Bridge Connectivity Solutions Pvt. Ltd.