ଗୀତସଂହିତା 36 - ଓଡିଆ ବାଇବେଲମନୁଷ୍ୟର ଦୁଷ୍ଟତା ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ। 1 ଦୁଷ୍ଟର ଅପରାଧ ମୋ’ ହୃଦୟ ମଧ୍ୟରେ କହେ, ପରମେଶ୍ୱର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର। 2 କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ। 3 ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନା ମାତ୍ର; ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି। 4 ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ। ଈଶ୍ୱର ମଙ୍ଗଳମୟ 5 ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ; ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ। 6 ତୁମ୍ଭର ଧର୍ମ ପରମେଶ୍ୱରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର ଶାସନସବୁ ମହାବାରିଧି ସ୍ୱରୂପ; ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ। 7 ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି। 8 ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ। 9 କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା। 10 ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର। 11 ଅହଂକାରୀର ଚରଣ ମୋ’ ବିରୁଦ୍ଧରେ ନ ଆସୁ ଓ ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ନ ଦେଉ। 12 ହେଇ, ଅଧର୍ମାଚାରୀମାନେ ପତିତ ହେଲେ; ସେମାନେ ଅଧଃପତିତ ହେଲେ, ଆଉ ଉଠିବାକୁ ସମର୍ଥ ହେବେ ନାହିଁ। |
© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0
Bridge Connectivity Solutions Pvt. Ltd.