ଗୀତସଂହିତା 66 - ଓଡିଆ ବାଇବେଲପ୍ରଶଂସା ଓ ଧନ୍ୟବାଦର ଗୀତ ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ। 1 ହେ ସମୁଦାୟ ପୃଥିବୀ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର। 2 ତାହାଙ୍କ ନାମର ମହିମା କୀର୍ତ୍ତନ କର; ତାହାଙ୍କ ପ୍ରଶଂସାକୁ ଗୌରବାନ୍ୱିତ କର। 3 ପରମେଶ୍ୱରଙ୍କୁ କୁହ, “ତୁମ୍ଭ କର୍ମସକଳ କିପରି ଭୟଙ୍କର ! ତୁମ୍ଭ ପରାକ୍ରମର ମହତ୍ତ୍ୱ ଦ୍ୱାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ।” 4 ସମୁଦାୟ ପୃଥିବୀ ତୁମ୍ଭଙ୍କୁ ପ୍ରଣାମ କରିବେ ଓ ତୁମ୍ଭ ଉଦ୍ଦେଶ୍ୟରେ ଗାନ କରିବେ; ସେମାନେ ତୁମ୍ଭ ନାମ କୀର୍ତ୍ତନ କରିବେ। 5 ଆସ ଓ ପରମେଶ୍ୱରଙ୍କ କ୍ରିୟାସକଳ ଦେଖ; ମନୁଷ୍ୟ-ସନ୍ତାନଗଣ ପ୍ରତି ଆପଣା କ୍ରିୟାରେ ସେ ଭୟଙ୍କର ଅଟନ୍ତି। 6 ସେ ସମୁଦ୍ରକୁ ଶୁଷ୍କଭୂମି କଲେ; ଲୋକମାନେ ନଦୀ ମଧ୍ୟ ଦେଇ ପାଦରେ ଗମନ କଲେ; ସେହି ସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ। 7 ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ୱ କରନ୍ତି; ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ। [ସେଲା] 8 ହେ ଜନବୃନ୍ଦ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର ଓ ତାହାଙ୍କ ପ୍ରଶଂସାର ଧ୍ୱନି ଶୁଣାଅ; 9 ସେ ଆମ୍ଭମାନଙ୍କ ପ୍ରାଣକୁ ଜୀବଦ୍ଦଶାରେ ରଖନ୍ତି ଓ ଆମ୍ଭମାନଙ୍କ ଚରଣକୁ ବିଚଳିତ ହେବାକୁ ଦିଅନ୍ତି ନାହିଁ। 10 କାରଣ ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ପରୀକ୍ଷା କରିଅଛ; ରୂପା ପରଖିଲା ପରି ତୁମ୍ଭେ ଆମ୍ଭମାନଙ୍କୁ ପରଖିଅଛ। 11 ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ, ତୁମ୍ଭେ ଆମ୍ଭମାନଙ୍କ କଟିଦେଶରେ ଭାରୀ ବୋଝ ଥୋଇଅଛ। 12 ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ; ଆମ୍ଭେମାନେ ଅଗ୍ନି ଓ ଜଳ ମଧ୍ୟଦେଇ ଗମନ କଲୁ; ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ଧନାଢ଼୍ୟ ସ୍ଥାନକୁ ଆଣିଅଛ। 13 ମୁଁ ହୋମବଳି ନେଇ ତୁମ୍ଭ ଗୃହକୁ ଆସିବି, ମୁଁ ସଙ୍କଟରେ ଥିଲା ବେଳେ 14 ମୋ’ ଓଷ୍ଠାଧର ଯାହା ଉଚ୍ଚାରଣ କରିଅଛି ଓ ମୋ’ ମୁଖ ଯାହା କହିଅଛି, ମୋହର ସେହିସବୁ ମାନତ ତୁମ୍ଭ ଉଦ୍ଦେଶ୍ୟରେ ପୂର୍ଣ୍ଣ କରିବି। 15 ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ ହୃଷ୍ଟପୁଷ୍ଟ ହୋମବଳି ଉତ୍ସର୍ଗ କରିବି; ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି। [ସେଲା] 16 ହେ ପରମେଶ୍ୱରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି। 17 ମୁଁ ଆପଣା ମୁଖରେ ତାହାଙ୍କୁ ଡାକିଲି ଓ ମୋ’ ଜିହ୍ୱା ଦ୍ୱାରା ସେ ପ୍ରତିଷ୍ଠିତ ହେଲେ। 18 ଯଦି ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, ତେବେ ପ୍ରଭୁ ମୋ’ କଥା ଶୁଣିବେ ନାହିଁ; 19 ମାତ୍ର ନିଶ୍ଚୟ ପରମେଶ୍ୱର ମୋ’ କଥା ଶୁଣିଅଛନ୍ତି, ସେ ମୋ’ ପ୍ରାର୍ଥନାର ରବରେ ମନୋଯୋଗ କରିଅଛନ୍ତି। 20 ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ମୋହର ପ୍ରାର୍ଥନା କିଅବା ମୋ’ଠାରୁ ଆପଣା ଦୟା ଦୂର କରି ନାହାନ୍ତି। |
© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0
Bridge Connectivity Solutions Pvt. Ltd.