ଗୀତସଂହିତା 88 - ଓଡିଆ ବାଇବେଲସହାୟତା ପାଇଁ ବିନତୀ ଗୀତ; କୋରହ-ସନ୍ତାନଗଣର ଗୀତ। ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ଲୀୟନ୍ନୋତ୍ ସ୍ୱରରେ ଇଷ୍ରାହୀୟ ହେମନର ମସ୍କୀଲ୍। 1 ସଦାପ୍ରଭୁ, ମୋ’ ପରିତ୍ରାଣର ପରମେଶ୍ୱର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୂକ୍ତି କରିଅଛି; 2 ମୋ’ ପ୍ରାର୍ଥନା ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ମୋ’ କାକୂକ୍ତିରେ କର୍ଣ୍ଣପାତ କର; 3 କାରଣ ମୋ’ ପ୍ରାଣ ଦୁଃଖରେ ପରିପୂର୍ଣ୍ଣ ଓ ମୋ’ ଜୀବନ ପାତାଳର ନିକଟବର୍ତ୍ତୀ ହେଉଅଛି। 4 ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ସଙ୍ଗେ ଗଣିତ; ମୁଁ ଅସହାୟ ଲୋକର ସମାନ। 5 ଯେଉଁ କବରଶାୟୀ ହତ ଲୋକମାନଙ୍କୁ ତୁମ୍ଭେ ଆଉ ସ୍ମରଣ କରୁ ନାହଁ ଓ ଯେଉଁମାନେ ତୁମ୍ଭ ହସ୍ତରୁ ବିଚ୍ଛିନ୍ନ ହୋଇଅଛନ୍ତି, ସେହି ମୃତ ଲୋକମାନଙ୍କ ମଧ୍ୟରେ ମୁଁ ତ୍ୟକ୍ତ ହୋଇଅଛି। 6 ତୁମ୍ଭେ ମୋତେ ନୀଚତମ ଗତ୍ତର୍ରେ, ଅନ୍ଧକାରରେ, ଗଭୀର ସ୍ଥାନରେ ରଖିଅଛ। 7 ତୁମ୍ଭର କୋପ ମୋ’ ଉପରେ ପ୍ରବଳ ହୋଇ ରହୁଅଛି ଓ ତୁମ୍ଭେ ଆପଣାର ସମସ୍ତ ତରଙ୍ଗରେ ମୋତେ କ୍ଳେଶ ଦେଇଅଛ। [ସେଲା] 8 ତୁମ୍ଭେ ମୋହର ପରିଚିତ ଲୋକମାନଙ୍କୁ ମୋ’ଠାରୁ ଦୂରରେ ରଖିଅଛ; ତୁମ୍ଭେ ସେମାନଙ୍କ ନିକଟରେ ମୋତେ ଘୃଣାର ବିଷୟ କରିଅଛ। ମୁଁ ଅବରୁଦ୍ଧ ହୋଇଅଛି ଓ ମୁଁ ବାହାରକୁ ଆସି ପାରୁ ନାହିଁ। 9 କ୍ଳେଶ ସକାଶୁ ମୋ’ ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୁ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି, ମୁଁ ତୁମ୍ଭଆଡ଼େ ଆପଣା ହସ୍ତ ପ୍ରସାରିଅଛି। 10 ତୁମ୍ଭେ କି ମୃତ ଲୋକମାନଙ୍କୁ ଆଶ୍ଚର୍ଯ୍ୟକ୍ରିୟା ଦେଖାଇବ ? ଯେଉଁମାନେ ମରିଯାଇଅଛନ୍ତି, ସେମାନେ ଉଠି କି ତୁମ୍ଭର ପ୍ରଶଂସା କରିବେ ? [ସେଲା] 11 କବରରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିଅବା ବିନାଶ ସ୍ଥାନରେ ତୁମ୍ଭର ବିଶ୍ୱସ୍ତତା କି ପ୍ରଚାରିତ ହେବ ? 12 ଅନ୍ଧକାରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟା ଓ ବିସ୍ମୃତି ଦେଶରେ ତୁମ୍ଭର ଧର୍ମ କି ଜଣାଯିବ ? 13 ମାତ୍ର ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରିଅଛି ଓ ପ୍ରଭାତରେ ମୋ’ ପ୍ରାର୍ଥନା ତୁମ୍ଭ ନିକଟରେ ଉପସ୍ଥିତ ହେବ। 14 ହେ ସଦାପ୍ରଭୁ, ତୁମ୍ଭେ କାହିଁକି ମୋ’ ପ୍ରାଣକୁ ପରିତ୍ୟାଗ କରୁଅଛ ? ତୁମ୍ଭେ କାହିଁକି ମୋ’ଠାରୁ ଆପଣା ମୁଖ ଲୁଚାଉଅଛ ? 15 ମୁଁ ବାଲ୍ୟକାଳଠାରୁ ଦୁଃଖଗ୍ରସ୍ତ ଓ ମୃତକଳ୍ପ; ମୁଁ ତୁମ୍ଭ ତ୍ରାସ ଭୋଗ କରି କରି ଉନ୍ମନା ହୋଇଅଛି। 16 ତୁମ୍ଭ ପ୍ରଚଣ୍ଡ କୋପ ମୋ’ ଉପର ଦେଇ ଯାଇଅଛି; ତୁମ୍ଭର ତ୍ରାସସବୁ ମୋତେ ଉଚ୍ଛିନ୍ନ କରିଅଛି। 17 ତାହାସବୁ ସାରାଦିନ ଜଳ ପରି ମୋ’ ଚାରିଆଡ଼େ ଉପସ୍ଥିତ; ତାହାସବୁ ଏକତ୍ର ମୋ’ ଚାରିଆଡ଼େ ବେଷ୍ଟନ କଲେ। 18 ତୁମ୍ଭେ ସ୍ନେହୀକୁ ଓ ମିତ୍ରକୁ ମୋ’ଠାରୁ ଦୂରରେ ଓ ମୋ’ ପରିଚିତ ଲୋକଙ୍କୁ ଅନ୍ଧକାରରେ ରଖିଅଛ। |
© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0
Bridge Connectivity Solutions Pvt. Ltd.