Biblia Todo Logo
Bìoball air-loidhne

- Sanasan -

ପ୍ରକାଶିତ 4 - ଓଡିଆ ବାଇବେଲ


ସ୍ୱର୍ଗରେ ଉପାସନା

1 ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ଦ୍ୱାର ଉନ୍ମୁକ୍ତ; ପୁଣି, ତୂରୀଶଦ୍ଦ ସଦୃଶ ମୋ ସହିତ କହୁଥିବା ଯେଉଁ ସ୍ୱର ମୁଁ ପୂର୍ବରେ ଶୁଣିଥିଲି; ତାହା କହିଲା, ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହି ସବୁ ଆମ୍ଭେ ତୁମ୍ଭକୁ ଦେଖାଇବୁ ।

2 ସେହିକ୍ଷଣି ମୁଁ ଆତ୍ମାରେ ପୁର୍ଣ ହେଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ସିଂହାସନ ସ୍ଥାପିତ ହୋଇଅଛି, ପୁଣି, ସିଂହାସନ ଉପରେ ଜଣେ ବସିଅଛନ୍ତି;

3 ସେହି ବ୍ୟକ୍ତିଙ୍କ ରୂପ ହୀରା ଓ ମାଣିକ୍ୟ ସଦୃଶ, ଆଉ ସିଂହାସନ ଚତୁର୍ଦ୍ଦିଗରେ ଗୋଟିଏ ମେଘଧନୁ, ତାହା ମରକତ ମଣି (ଉଜ୍ଜ୍ୱଳ ସବୁଜ ରଙ୍ଗର ମର୍କତ ମଣି) ତୁଲ୍ୟ ।

4 ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ ।

5 ସିଂହାସନ ମଧ୍ୟରୁ ବିଜୁଳୀ, ବିଭିନ୍ନ ସ୍ୱର ଓ ମେଘଗର୍ଜନ ନିର୍ଗତ ହେଉଅଛି, ଆଉ ସିଂହାସନ ସମ୍ମୁଖରେ ଅଗ୍ନିମୟ ସପ୍ତ ପ୍ରଦୀପ ଜଳୁଅଛି, ଏହି ସପ୍ତ ପ୍ରଦୀପ ଈଶ୍ୱରଙ୍କ ସପ୍ତ ଆତ୍ମା ।

6 ସିଂହାସନ ସମ୍ମୁଖରେ ସ୍ଫଟିକ ପରି ସ୍ୱଚ୍ଛ ଏକ ସମୁଦ୍ର; ସିଂହାସନ ଚତୁର୍ଦ୍ଦିଗର ମଧ୍ୟସ୍ଥଳରେ ଚାରି ପ୍ରାଣୀ, ସେମାନଙ୍କର ଆଗ ଓ ପଛ ଚକ୍ଷୁରେ ପରିପୂର୍ଣ୍ଣ ।

7 ପ୍ରଥମ ପ୍ରାଣୀ ସିଂହ ସଦୃଶ, ଦ୍ୱିତୀୟ ପ୍ରାଣୀ ଗୋରୁ ସଦୃଶ, ତୃତୀୟ ପ୍ରାଣୀର ମୁଖ ମନୁଷ୍ୟମୁଖ ସଦୃଶ, ପୁଣି, ଚତୁର୍ଥ ପ୍ରାଣୀ ଉଡନ୍ତା ଉତ୍କ୍ରୋଶ ପକ୍ଷୀ ସଦୃଶ ।

8 ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ । ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, ଯେ ସର୍ବଶକ୍ତିମାନ, ଯେ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ, ସେହି ପ୍ରଭୁ ଈଶ୍ୱର ପବିତ୍ର, ପବିତ୍ର, ପବିତ୍ର ।

9 ପ୍ରାଣୀମାନେ ଯେତେବେଳେ ସେହି ସିଂହାସନ ଉପବିଷ୍ଟ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ଗୌରବ ସମ୍ଭ୍ରମ ଓ ଧନ୍ୟବାଦ ଦିଅନ୍ତି,

10 ସେତେବେଳେ ଚବିଶ ପ୍ରାଚୀନ ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ଓ ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି,

11 ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ୱର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ଯୋଗ୍ୟ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ ସେହି ସବୁ ସତ୍ତା ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି ।

© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0

Bridge Connectivity Solutions Pvt. Ltd.
Lean sinn:



Sanasan